କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଓଡିଶାବାସୀଙ୍କୁ ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ବାର୍ତ୍ତା ପ୍ରଦାନ କରିଛନ୍ତି । ସେ କହିଛନ୍ତି ଯେ,
ପ୍ରିୟ ଭାଇ ଓ ଭଉଣୀମାନେ,
ଆପଣମାନଙ୍କୁ ସମସ୍ତଙ୍କୁ ନମସ୍କାର । ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି । ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା । ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା । ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା । ଅର୍ଥନୀତି ଉପରେ ବହୁତ ଚାପ ଥିଲା । ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା ବାତ୍ୟା ମରୁଡି ଲାଗି ରହି ଥିଲା ଗରିବୀ ବହୁ ଅଧିକ ଥିଲା । ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା । ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ ବହୁତ କଷ୍ଟକର ଥିଲା । ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ । ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ? ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା । ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ । ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି । ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି । ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା । ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି । ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ । ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ । ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି । ଆଜି ଓଡିଶା ଆତ୍ମବିଶ୍ୱାସର ସହ ଆଗକୁ ବଢୁଛି । ସଶକ୍ତ ହେଉଛି । ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ ।

ସରକାରୀ କର୍ମଚାରୀମାନଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ । ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ । ଦାୟିତ୍ୱ ପାଳନ କରିବା ବେଳେ, ୫-ଟି ଉପକ୍ରମ – ଟିମ୍‌ ୱାର୍କ, ଟେକ୍‌ନୋଲୋଜି, ଟ୍ରାନ୍‌ସପ୍ୟାରେନ୍‌ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ । ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖନ୍ତୁ ।

Leave A Reply

Your email address will not be published.