jayashree

ଜଳସାଥୀ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ

  • ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ
  • ଜଳସାଥୀ ମାନେ ସରକାର ଓ ଜନସାଧାରଣଙ୍କ ମଧ୍ୟରେ ବିଶ୍ୱାସର ସେତୁ ହୋଇଛନ୍ତି
  • ଜଳସାଥୀ ମାନଙ୍କ ଯାତାୟତର ସୁବିଧା ପାଇଁ ସେମାନଙ୍କୁ ସାଇକେଲ ପ୍ରଦାନ କରାଯିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନ୍‌ଭେନ ସେଣ୍ଟରରେ ଜଳସାଥୀ ମାନଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ଯାତାୟତର ସୁବିଧା ପାଇଁ ସାଇକେଲ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି । ଜଳସାଥୀ ମାନେ ସରକାରଙ୍କ ଜଳଯୋଗାଣ ବିଭାଗ ଓ ଉପଭୋକ୍ତାମାନଙ୍କ ମଧ୍ୟରେ ସେତୁ ସାଜି ଉଭୟଙ୍କ ମଧ୍ୟରେ ବିଶ୍ୱାସ ସୃଷ୍ଟି କରିବାରେ ସହାୟକ ହୋଇଛନ୍ତି । ସେମାନଙ୍କ କାର୍ଯ୍ୟ ଦକ୍ଷତା ଦ୍ୱାରା ଜଳଯୋଗାଣର ଗୁଣବତ୍ତା ଓ ନିର୍ଭରଶୀଳତା ପ୍ରତିପାଦିତ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ସହରାଞ୍ଚଳ ପାନୀୟ ଜଳ ଯୋଗାଣ ଓ ୱାଟର ଟ୍ରିଟମେଣ୍ଟ ପ୍‌ଲାଣ୍ଟ କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମା’ ଏବଂ ତୃତୀୟ ଲିଙ୍ଗର ଭଉଣୀମାନଙ୍କୁ ଦାୟିତ୍ୱ ଦିଆଯାଇଛି । ସେମାନେ ମିଟର ରିଡିଂ, ଜଳର ମାନ ପରୀକ୍ଷା, ନୂତନ ସଂଯୋଗ ଓ ବେନିୟମ ସଂଯୋଗ ଦୂର କରିବା କ୍ଷେତ୍ରରେ କାମ କରୁଛନ୍ତି । ଏଥିପାଇଁ ସେମାନଙ୍କୁ ତାଲିମ ଦିଆଯାଇଛି । ବିକେନ୍ଦ୍ରୀକରଣ ଓ ଜନ ଭାଗିଦାରୀ (Community Partnership) ରାଜ୍ୟ ସରକାରଙ୍କ ସହରାଞ୍ଚଳ ପରିଚାଳନା ମଡେଲର ଦୁଇ ଆଖି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସାଥୀ ମାନେ ଏହି ଉଭୟ ଆଖିକୁ ପ୍ରତିନିଧିତ୍ୱ କରୁଛନ୍ତି । ୩ ବର୍ଷ ତଳେ ୫-ଟି ଉପକ୍ରମରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଆଜି ସାରା ଓଡିଶାର ସହରାଞ୍ଚଳରେ ଜଳସାଥୀ ମାନେ ଜଳଯୋଗାଣ କାର୍ଯ୍ୟକ୍ରମକୁ ସଫଳତାର ପରିଚାଳନା କରୁଛନ୍ତି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ୧୧୪ଟି ସହରରୁ ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳଯୋଗାଣର ବ୍ୟବସ୍ଥା କରାଯାଇପାରିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୪୦ ଜଣ ଜଳସାଥୀ ୮.୪୦ ଲକ୍ଷ ଉପଭୋକ୍ତାଙ୍କ ଜଳଯୋଗାଣ କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି ଏବଂ ଏ ବାବଦରେ ୬୭ କୋଟି ଟଙ୍କା ଜଳକର ଆଦାୟ କରିପାରିଛନ୍ତି । ସେମାନଙ୍କ ଦ୍ୱାରା ମିଟର ରିଡିଂ, ଜଳକର ଆଦାୟ ଓ ବେନିୟମ ପାଇପ ସଂଯୋଗ ଦୂର କରିବା କାର୍ଯ୍ୟରେ ବହୁତ ଉନ୍ନତି ଆସିଛି ବୋଲି ସେ କହିଥିଲେ ।

ଜଳସାଥୀ କାର୍ଯ୍ୟକ୍ରମ ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମିଶନ ଶକ୍ତି ଗୋଷ୍ଠୀଙ୍କୁ ସମ୍ପତ୍ତି କର ଆଦାୟ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ଦ୍ୱାରା ସହରାଞ୍ଚଳରେ ରାଜସ୍ୱ ବୃଦ୍ଧି ହେବା ସହିତ ମିଶନ ଶକ୍ତି ମା’ମାନଙ୍କର ଆର୍ଥିକ ଅଭିବୃଦ୍ଧି ସହିତ ସଶକ୍ତିକରଣ ହୋଇପାରିବ ବୋଲି ସେ କହିଛନ୍ତି ।

ରାଜ୍ୟ ସରକାରଙ୍କ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ କାର୍ଯ୍ୟକ୍ରମରେ ଆନ୍ତର୍ଜାତିକ ମାନର ପାନୀୟ ଜଳ ଦିନରାତି ୨୪ ଘଣ୍ଟା ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଏହି କାର୍ଯ୍ୟକ୍ରମ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓ ଅନୁକରଣୀୟ ହୋଇପାରିଛି । ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ଓ ଜଳସାଥୀ କାର୍ଯ୍ୟକ୍ରମକୁ ଜାତୀୟ ସ୍ତରରେ ପ୍ରାଥମିକତା ଦିଆଯାଇ ଅମୃତ ୨.୦ କାର୍ଯ୍ୟକ୍ରମରେ ସବୁ ରାଜ୍ୟରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଜାଗା ମିଶନ ଓ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ପରି କାର୍ଯ୍ୟକ୍ରମ ଓଡିଶାର ସହରାଞ୍ଚଳ ପାଇଁ ଏକ ସଫଳତାର କାହାଣୀ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସାଥୀ ପରି ଜନଭାଗିଦାରୀ କାର୍ଯ୍ୟକ୍ରମ ବିନା ଏହା ସଫଳ ହୋଇପାରି ନଥାନ୍ତା । ମିଶନ ଶକ୍ତିର ବିଭିନ୍ନ ଗୋଷ୍ଠୀ ଓ ଜଳସାଥୀ ମାନଙ୍କ ସହିତ ଭାଗିଦାରୀ ପାଇଁ ରାଜ୍ୟ ସରକାର ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଜନଭାଗିଦାରୀ କାର୍ଯ୍ୟକ୍ରମ ଦ୍ୱାରା ପ୍ରଶାସନିକ ବ୍ୟବସ୍ଥାରେ ନାଗରିକ ମାନେ ଉତ୍କୃଷ୍ଟ ସେବା ପାଇପାରିଥାନ୍ତି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହା ଏକ ସଶକ୍ତ ଓଡିଶା ଗଠନ ଦିଗରେ ଆମକୁ ଆଗେଇ ନେବ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କହିଲେ ଯେ, ମା ମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଆଜି ସଫଳତାର ସହ କାର୍ଯ୍ୟକାରୀ ହୋଇଛି । ମହିଳା ସଶକ୍ତିକରଣ ଦିଗରେ ଏହା ଏକ ଅନନ୍ୟ ଉଦାହରଣ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ୱାଗତ ଭାଷଣ ଦେଇ କହିଲେ ଯେ, ରାଜ୍ୟର ସହରାଞ୍ଚଳର ୯୭ ଭାଗ ଲୋକ ଏବେ ପାଇପ ଜଳ ପାଇପାରୁଛନ୍ତି । ରାଜ୍ୟର ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳଯୋଗାଣ ହୋଇଥିବା ବେଳେ ବାକି ୨୦ଟି ସହରରେ ଡିସେମ୍ବର ୨୦୨୩ ସୁଦ୍ଧା ପାଇପ ଜଳର ବ୍ୟବସ୍ଥା ସଂପୂର୍ଣ୍ଣ ହେବ ବୋଲି ସେ କହିଥିଲେ । ବିଭାଗୀୟ ସ୍ୱତନ୍ତ୍ର ସଚିବ ଶ୍ରୀମତୀ ସାଗରିକା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

କୋହ ଓ ଆନନ୍ଦାଶୃରେ ଭରିଲା ଜଳସାଥୀ ମା’ମାନଙ୍କର ଆଖି । ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛୁ ବୋଲି ମିଶନ ଶକ୍ତିର ଜଳସାଥୀ ମାନେ ମତ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜଳସାଥୀ ମାନଙ୍କ ଦକ୍ଷତା ବୃଦ୍ଧି କାର୍ୟ୍ୟକ୍ରମରେ ମିଶନ ଶକ୍ତିର କିଛି ମା ମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । ପୁରୀର ଶ୍ରୀମତୀ ମହାପାତ୍ର ଓ ଭୁବନେଶ୍ୱରର ସୁଜାତା ପଟ୍ଟନାୟକ ପ୍ରମୁଖଙ୍କ ଆଖିରେ ଥିଲା ଆନନ୍ଦର ଅଶୃ । କୋହଭରା କଣ୍ଟରେ ସେମାନେ କହିଲେ ଯେ, ଘର ଭିତରେ ଗୃହିଣୀ ହେବା ଛଡା ଆମର ଆଉ କିଛି କରିବାର ଶକ୍ତି ଅଛି ବୋଲି ଆମେ ଜାଣି ନ ଥିଲୁ । ମୁଖ୍ୟମନ୍ତ୍ରୀଙ୍କ ଯୋଗୁଁ ଆମେ ଏକ ସ୍ୱତନ୍ତ୍ର ପରିଚୟ ପାଇପାରିଛୁ । ଜୀବନର ସାର୍ଥକତା ପାଇଛୁ ।

ସେହିପରି କଟକ ଓ ଭୁବନେଶ୍ୱରରେ Water Treatment Plant ଓ Septage Treatment Plant ପରିଚାଳନା କରୁଥିବା ତୃତୀୟ ଲିଙ୍ଗର ସଦସ୍ୟା ତନୁଶ୍ରୀ ବେହେରା ଓ ମେଘନା ପ୍ରମୁଖ କହିଥିଲେ ଯେ, ଆମ ପରିବାରରେ ବି ଆମର ସମ୍ମାନ ନଥିଲା । ଥିଲା କେବଳ ତିରସ୍କାର । ସମାଜ ଆମକୁ ଗ୍ରହଣ କରୁନଥିଲା । ଆଜି ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ଆମ ନିଜର ମୂଲ୍ୟ ଅଛି ବୋଲି ଅନୁଭବ କରୁଛୁ । ନିଜର ଏକ ସ୍ୱତନ୍ତ୍ର ପରିଚୟ ପାଇପାରିଛୁ । ମୁଖ୍ୟମନ୍ତ୍ରୀଙ୍କୁ କୋଟି କୋଟି ପ୍ରଣାମ ।

Leave A Reply

Your email address will not be published.