pakka

ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ

bbehera
  • ୧୮୦୬ କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର ଶୁଭାରମ୍ଭ
  • ୫୬୦୦ ଏସ୍‌ଏଚ୍‌ଜି ଗୃପକୁ ୨୨୦ କୋଟି ଟଙ୍କାର ସହାୟତା ପ୍ରଦାନ
  • ‘କ୍ଟଦ୍ଭର ପଞ୍ଚାୟତ, କ୍ଟଦ୍ଭର ପ୍ରଡକ୍ଟ’ର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱନ
  • ଶିଳ୍ପ ବିକାଶରେ ମା’ମାନେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଗସ୍ତ କରି ସେ ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ବାଲେଶ୍ୱରର ସୋମନାଥପୁର ଠାରେ ଏକ ନବନିର୍ମିତ ରେଳ ଓଭରବ୍ରିଜକୁ ମଧ୍ୟ ଉଦ୍‌ଘାଟିତ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୫୬୦୦ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ସହାୟତା ମଧ୍ୟ ପ୍ରଦାନ କରି ମିଶନ ଶକ୍ତି ମା’ ମାନଙ୍କୁ ଉଦ୍ୟୋଗୀ ହେବା ପାଇଁ ଆହ୍ୱାନ ଦେଇଥିଲେ ଏବଂ ଏହି ଆନ୍ଦୋଳନକୁ ଏକ ନୂଆ ସୋପାନକୁ ନେବା ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲାର ୬୦ ହଜାର ମା’ମାନଙ୍କୁ ଏହି ସହାୟତା ମିଳିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ୱାନ ପଞ୍ଚାୟତ, ୱାନ ପ୍ରଡକ୍ଟ ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତ୍ୟେକ ପଞ୍ଚାୟତ ଯଦି ଗୋଟିଏ ଗୋଟିଏ ସ୍ୱତନ୍ତ୍ର ଦ୍ରବ୍ୟ ଉତ୍ପାଦନ କରିପାରିବେ, ତେବେ ଏଥିପାଇଁ ବଜାର ସୃଷ୍ଟି ହେବାରେ ସୁବିଧା ହେବା ସହିତ ପ୍ରତ୍ୟେକ ପଞ୍ଚାୟତର ଏକ ସ୍ୱତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି ହୋଇପାରିବ । ମା’ମାନେ ଓଡିଶାର ଶିଳ୍ପ ବିକାଶରେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଗାମୀ ୫ ବର୍ଷରେ ମା’ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ଋଣ ଦିଆଯିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବାଲେଶ୍ୱର ହେଉଛି ଏକ ଆଗୁଆ ଜିଲ୍ଲା । ଶିକ୍ଷା, ସାହିତ୍ୟ, ଶିଳ୍ପ, କୃଷି, ଭିତ୍ତିଭୂମି – ସବୁ କ୍ଷେତ୍ରରେ ବାଲେଶ୍ୱର ଆଗୁଆ । ଆଜିର କାର୍ଯ୍ୟକ୍ରମ ବିକାଶର ଏହି ଧାରାକୁ ଆହୁରି ଆଗକୁ ନେବ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର ଓ ବାଲେଶ୍ୱର ବିଧାୟକ ସ୍ୱରୂପ ଦାସ ପ୍ରମୁଖ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ବାଲେଶ୍ୱର ଜିଲ୍ଲାରେ ହୋଇଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ମେଡିକାଲ କଲେଜ ଠାରୁ ଆରମ୍ଭ କରି ରାସ୍ତାଘାଟ, ପାନୀୟ ଜଳ, ସ୍ୱାସ୍ଥ୍ୟ କଲ୍ୟାଣ କାର୍ଯ୍ୟକ୍ରମ ସବୁ କ୍ଷେତ୍ରରେ ବାଲେଶ୍ୱର ଜିଲ୍ଲାରେ ଉଲ୍ଲେଖନୀୟ କାର୍ଯ୍ୟ ହେଉଛି ବୋଲି ସେମାନେ କହିଥିଲେ । ମିଶନ ଶକ୍ତି କାର୍ଯ୍ୟକ୍ରମ ଦ୍ୱାରା ମା’ମାନଙ୍କୁ ନୂଆ ପରିଚୟ ମିଳିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଧାୟକଗଣ ଉପସ୍ଥିତ ଥିଲେ । ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

2 − 2 =

error: Content is protected !!