ବଲାଙ୍ଗିର, (କେପିଏନ୍ଏସ୍) : ଆଜି ଅପରାହ୍ନରେ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଆଗାମୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଦେବକୀ ସାହୁ, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁଦର୍ଶନ ସଏ, ଡିଏସପି ଡିଆଇବି ତପନ ନାରାୟଣ ରଥ, ଏସଡିପିଓ ତୋଫାନ କୁମାର ବାଗଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ, ବିଭିନ୍ନ ବିଭାଗର ଅଧିକାରୀ, ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର କର୍ମକର୍ତ୍ତା ଓ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ । ବୈଠକରେ ଜିଲ୍ଲାପାଳ ଶ୍ରୀ ରାଣା ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଆଲୋଚ୍ୟ ବିଷୟ ଉପସ୍ଥାପନ କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ତା.୨୬.୦୧.୨୦୨୩ରିଖ ସାଧାରଣତନ୍ତ୍ର ଦିବସ ଦିନ ପ୍ରାତଃ ୫ ଘଟିକା ସମୟରେ ରାମଧୁନ, ସକାଳ ୬ରୁ ୭ ଘଟିକା ମଧ୍ୟରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ପ୍ରଭାତ ଫେରି, ସକାଳ ୭ରୁ ୭ .୩୦ ମଧ୍ୟରେ ସରକାରୀ, ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନମାନଙ୍କରେ ଜାତୀୟ ପତାକା ଉତ୍ତୋଳନ, ସକାଳ ୭.୧୫ ରୁ ୭.୪୫ ମଧ୍ୟରେ ସହରରେ ଥିବା ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ସକାଳ ୮.୩୦ ସମୟରେ ମନୋହରପୁର ରିଜର୍ଭ ପୋଲିସ ପଡିଆରେ ଆନୁଷ୍ଠାନିକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଦିବସର ମୁଖ୍ୟ ଅତିଥି ସକାଳ ୮.୩୦ ସମୟରେ ଆନୁଷ୍ଠାନିକ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିବେ । ସମ୍ମିଳିତ ପ୍ୟାରେଡରେ ଏପିଆର, ହୋମ ଗାର୍ଡ, ଏନସିସି, ସ୍କାଉଟ, ଗାଇଡ, ରେଡକ୍ରସ୍ ଓ ସିଭିଲିଆନ ଦଳ ଅଂଶଗ୍ରହଣ କରିବେ । ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ସଂଗୀତ, ଚିତ୍ରାଙ୍କନ, ସ୍ଵାଧୀନତା ସଂଗ୍ରାମୀ ବେଶ, ଓଡିଆ, ଇଂରାଜୀ ପ୍ରବନ୍ଧ ଓ ବକ୍ତୃତା, ହିନ୍ଦୀ ବକ୍ତୃତା ପ୍ରତିଯୋଗିତା ଆଗାମୀ ୧୩ ତାରିଖଠାରୁ ୧୭ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଏତଦବ୍ୟତୀତ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଜିଲ୍ଲାକୁ ଗର୍ବାନ୍ଵିତ କରିଥିବା ପ୍ରତିଭାମାନଙ୍କୁ ପୁରସ୍କୃତ କରାଯିବ । ସାଧାରଣତନ୍ତ୍ର ଦିବସ ଉତ୍ସବରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ବିଭିନ୍ନ ବିଭାଗ ଦ୍ଵାରା ସଚେତନତାମୂଳକ ପ୍ରଜ୍ଞାପନ ମେଢ ପ୍ରଦର୍ଶନ କରାଯିବ । ପ୍ୟାରେଡ ଉତ୍ସବ ପରେ ଜିଲ୍ଲା କାରାଗାରର ଅନ୍ତେବାସୀ, ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ ସହ ପୁଇଁତଳା ସ୍ଥିତ କୁଷ୍ଠ କଲୋନୀ ଅନ୍ତେବାସୀଙ୍କୁ ବସ୍ତ୍ର ବଣ୍ଟନ କରାଯିବ । ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଜିଲ୍ଲା ସାମ୍ବାଦିକ ସଂଘ ଆନୁକୂଲ୍ୟରେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ରକ୍ତ ଭଣ୍ଡାର ଠାରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯିବ । ଅପରାହ୍ନ ୨ ଘଟିକା ସମୟରେ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମଠାରେ ଜିଲ୍ଲାପାଳ ଏକାଦଶ ବନାମ ସାମ୍ବାଦିକ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ କ୍ରିକେଟ ଖେଳ ଅନୁଷ୍ଠିତ ହେବ । ବୈଠକ ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପାଣିଗ୍ରାହୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
Prev Post
Next Post