ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି : ଆସନ୍ତୁ ଜାଣିବା ଏହାର ମହତ୍ୱ…..

ବଲାଙ୍ଗିର, (କେପିଏନ୍‌ଏସ୍‌) : ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।

ବିଶ୍ୱାସ :

ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରି ସେଥିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ, ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ସମୟରେ ଅଭୀଷ୍ଟ ସିଦ୍ଧି ପାଇଁ ସୂର୍ଯ୍ୟ ଉପାସନ କରାଯାଏ । ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେବୀ ସଂକ୍ରାନ୍ତି ଏହି ତିଥିରେ ଶଙ୍କରାସୁରକୁ ବଧ କରିଥିଲେ । ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ସମୟରେ ଯେଉଁମାନଙ୍କର ପରଲୋକ ହୁଏ, ସେମାନଙ୍କୁ ସ୍ୱର୍ଗଲୋକ ପ୍ରାପ୍ତ ହୁଏ ବୋଲି ହିନ୍ଦୁମାନେ ବିଶ୍ୱାସ କରନ୍ତି । ମକର ସଂକ୍ରାନ୍ତିଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି । ଆଉ କେତେକ ସ୍ଥାନରେ ଏହି ଦିନ ଶିବଙ୍କୁ ପୂଜା କରାଯାଏ । କେତେକ ଏହି ଦିନ ଉଭୟ ଶିବ ଓ ସୂର୍ଯ୍ୟଙ୍କୁ ପୂଜା କରନ୍ତି । ଏହି ମକର ସଂକ୍ରାନ୍ତିର ପୂଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ । ତେଣୁ କେଉଁ ଆବାହମାନ କାଳରୁ ସରୋବର, ନଦୀ ତଟ, ମହୋଦଧି ତୀର ପ୍ରଭୃତି ପବିତ୍ର ସ୍ଥାନମାନଙ୍କରେ ମକର ମେଳା, ସାଧୁସଙ୍ଗ ଓ ମହୋତ୍ସବର ପରମ୍ପରା ଚାଲିଆସିଛି । ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି । ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଥାଏ । ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତ୍ୟୁବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ‘ଉତ୍ତରାୟଣ ଯାତ୍ରା’ ବା ମକର ସଂକ୍ରାନ୍ତି ଉତ୍ସବ ମହାସମାରୋହରେ ପାଳିତ ହୋଇଥାଏ । ଏହି ଯାତ୍ରା ସମ୍ବନ୍ଧରେ ସ୍କନ୍ଧପୁରାଣରେ ଉଲ୍ଲେଖ ରହିଛି ଯେ, ମହା ପୁଣ୍ୟମୟ ମକର ସଂକ୍ରାନ୍ତି ଦିନ ଶ୍ରୀକ୍ଷେତ୍ରରେ ତୀର୍ଥରାଜ ମହୋଦଧିରେ ସ୍ନାନ କରି ଶ୍ରୀମନ୍ଦିରରେ କଳ୍ପବଟ ପ୍ରଦକ୍ଷିଣପୂର୍ବକ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଅଶେଷ ଫଳପ୍ରାପ୍ତି ହୋଇଥାଏ ।

ଭୋଗ :

ମକର ସଂକ୍ରାନ୍ତି ବେଳକୁ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆଫସଲ ଅମଳ ହୋଇଥାଏ । ତେଣୁ ସେଦିନ ନୂଆ ଧାନରୁ ପ୍ରସ୍ତୁତ ଅପକ୍ୱ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, ପାଚିଲା କଦଳୀ, ଘିଅ, କ୍ଷୀର ଇତ୍ୟାଦି ଗୋଳେଇ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଗୃହଦେବତାଙ୍କୁ ଓ ଧାନଖଳାରେ ଭୋଗ ଲଗାଯାଏ । ଏହି ଭୋଗ ‘ମକର ଚାଉଳ’ ଭାବେ ପରିଚିତ । ଏହି ଭୋଗ ଖିଆଖେଇ ହୋଇ ଲୋକେ ‘ମକର’ ବସନ୍ତି । କେତେକ ଅଞ୍ଚଳରେ ନୂଆଧାନର ଚାଉଳରେ ପ୍ରସ୍ତୁତ ପୋଡ଼ପିଠା ସହିତ ଗୁଡ, କଦଳୀ, ନଡ଼ିଆ ଓ ଅରୁଆଚାଉଳରେ ଭୋଗ କରାଯାଇ ଦେବାଦେବୀଙ୍କ ପାଖରେ ଦିଆଯାଏ । ସୂର୍ଯ୍ୟଙ୍କ ଯୋଗୁଁ କୃଷିକ୍ଷେତରେ ଶସ୍ୟ ଉତ୍ପନ ହେଉଥିବାରୁ କୃଷକମାନେ ମକରସଂକ୍ରାନ୍ତିର ପୂଣ୍ୟକାଳରେ ସୂର୍ଯ୍ୟଙ୍କୁ ନୂତନ ଶସ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରିଥା’ନ୍ତି ।

ଆଦିବାସୀଙ୍କ ମକରପର୍ବ :

ଓଡ଼ିଶାର ଉତ୍ତରାଞ୍ଚଳରେ, ବିଶେଷତଃ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଆଦିବାସୀମାନଙ୍କର ମକରଯାତ୍ରା ଏକ ପ୍ରଧାନ ପର୍ବ । ଏହି ଅଞ୍ଚଳରେ ବସବାସ କରୁଥିବା କୁଡୁମୀ ସମ୍ପ୍ରଦାୟର ଲୋକେ ଏହି ପର୍ବକୁ ଟୁସୁ ପରବ ରୂପେ ପାଳନ କରିଥା’ନ୍ତି । ମକର ସଂକ୍ରାନ୍ତିର ପୂର୍ବରୁ ଓ ପରେ ସମସ୍ତଙ୍କ ଘରେ ଭିନ୍ନଭିନ୍ନ ପ୍ରକାର ବ୍ୟଞ୍ଜନ ବିଭିନ୍ନ ଦିନରେ ହୋଇଥାଏ । ଏହି ପର୍ବରେ ସମସ୍ତେ ନୂଆବସ୍ତ୍ର ପରିଧାନ କରନ୍ତି । ନାଚଗୀତ ଓ ଭୋଜିଭାତ ମାଧ୍ୟମରେ ଏହିପର୍ବକୁ ମହା ଆନନ୍ଦରେ ଆଦିବାସୀମାନେ ପାଳନ କରିଥା’ନ୍ତି । ମକର ପର୍ବର ଟୁସୁଗୀତ ଅତ୍ୟନ୍ତ ହୃଦୟସ୍ପର୍ଶୀ । ଓଡ଼ିଶାର ସମତଳ ଅଞ୍ଚଳ ଅପେକ୍ଷା ମାଳ ଅଞ୍ଚଳରେ ମକର ଯାତ୍ରା ବଡ଼ ଜାକଜମକରେ ଦୀର୍ଘଦିନ ଧରି ପାଳନ କରାଯାଏ । ପ୍ରାୟ ପ୍ରତ୍ୟେକ ଆଦିବାସୀ ଗୋଷ୍ଠୀ ଏହି ପର୍ବ ପାଳନ କରନ୍ତି । ଏହି ସମୟରେ ଆଦିବାସୀ ଅଞ୍ଚଳଗୁଡିକ ଯାତ୍ରା ମେଳଣର ଆମୋଦ ପ୍ରମୋଦରେ ଜୀବନ୍ତ ହୋଇଉଠେ । ସେମାନଙ୍କ ପରମ୍ପରାରେ ମକରଯାତ୍ରା ଏକ ସ୍ନେହ, ପ୍ରେମ ଓ ସଦ୍‌ଭାବନାର ମହୋତ୍ସବ ।

କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଆସାମ, ବଙ୍ଗଳା ଓ ଓଡ଼ିଶା ପ୍ରଭୃତି ସ୍ଥାନରେ କୃଷକମାନେ ମକର ପର୍ବକୁ ଦୁଇଦିନ ବା ତିନିଦିନ ପାଳନ କରିଥା’ନ୍ତି । ଦକ୍ଷିଣ ଭାରତରେ ଏହା ପୋଙ୍ଗଲ ଓ ଅନ୍ୟାନ୍ୟ ସ୍ଥାନରେ ଭୋଗୀ ପର୍ବ ଭାବେ ପରିଚିତ । ଏହିଦିନଠାରୁ ଦକ୍ଷିଣରେ ନୂଆବର୍ଷ ଆରମ୍ଭ ହୋଇଥାଏ । ଏହିପର୍ବଟିକୁ ଦାକ୍ଷିଣାତ୍ୟରେ ତିନିଦିନ ଧରି ପାଳନ କରାଯାଇଥାଏ ।

ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ପାଳନ - ONA KHABAR

ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ପାଳନ :

ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ । ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ବଢ଼ିଥାଏ । ଘଣ୍ଟ, ଛତା, କାହାଳୀ ପଟୁଆର ସହିତ ତଳିଚ୍ଛୁ ଓ ପ୍ରଧାନୀ (ସେବକ)ଙ୍କ ହାତପୈଠ (ହାତୁଆଣୀ) ହୋଇ ରୋଷଘରଠାରୁ ଭୋଗ ଶ୍ରୀଛାମୁକୁ ଆସିଥାଏ । ଭୋଗଟେରା (ଭୋଗପୂଜା ସମୟରେ ସାଧାରଣଙ୍କ ପ୍ରବେଶ ନିରୋଧ କରିବାକୁ ଶ୍ରୀମନ୍ଦିର ଭିତର କଳାହାଟ ଦ୍ୱାର ସମ୍ମୁଖରେ ବନ୍ଧା ହେଉଥିବା କନାର ଲୁଗା) ବନ୍ଧାହେବା ପରେ ଦିଗପାଳ ବଳି ନୀତି ହୋଇଥାଏ । ଭୋଗ ବଢ଼ିବା ପରେ ପାଣି ପଡ଼ି ଧୋପଖାଳ (ଲୋକମାନଙ୍କୁ ବାହାର କରାଯାଇ ଭୋଗ ବଢ଼ାଯିବା ସ୍ଥାନ ଧୁଆଧୋଇ କରି ପରିଷ୍କାର କରାଯିବା) ହୋଇ ଟେରା ବନ୍ଧାଯାଏ । ଇତି ମଧ୍ୟରେ ମକରଚାଉଳ ପ୍ରସ୍ତୁତି ନିମନ୍ତେ ରୋଷଘରକୁ ଗୋଦାମରୁ ନଡ଼ିଆ, ଘିଅ, ମିଠା, ମସଲା ଓ ଦୁଧ ସରମାନ ଅଣାଯାଇଥାଏ । ହାଣ୍ଡି କୁଡ଼ୁଆ ଇତ୍ୟାଦି ସଜଡ଼ା ଯାଇଥାଏ । ସୁଦୁ ସୁଆର ସେବକ ଉପରୋକ୍ତ ଦ୍ରବ୍ୟଗୁଡ଼ିକରେ ମକରଚାଉଳ ପ୍ରସ୍ତୁତ କରି ରଖିଥାନ୍ତି । ଏହାପରେ ପୂର୍ବ ଦିନରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ / ପନ୍ତିବଡ଼ୁ (ଶ୍ରୀଛାମୁରେ କୋଠଭୋଗ ବାଢ଼ିବା ସେବକ) ସେବକମାନେ ମୁହଁରେ ବାଘମୁହାଁ (ଭୋଗ ନେବାବେଳେ ପାଟିରୁ ଛେପ ନ ପଡ଼ିବା ପାଇଁ ମୁହଁରେ ବନ୍ଧାଯାଉଥିବା କନା) ବାନ୍ଧି ଘଣ୍ଟ, ଛତା, କାହାଳୀ ପଟୁଆରରେ ତଳିଚ୍ଛୁ (ମହାନାୟକ ସେବକ ଓ ପରିଚ୍ଛାଙ୍କ ପ୍ରତିନିଧି)ଙ୍କ ସହ ମୁଖ୍ୟ ମନ୍ଦିରକୁ ତିନିଥର ପରିକ୍ରମା କରି ଶ୍ରୀଛାମୁରେ ପନ୍ତି ବାଢ଼ିଥାନ୍ତି । ଏହାପରେ ମହାଭୋଇ (ଶ୍ରୀମନ୍ଦିରର ମୁଖ୍ୟ ଗଉଡ଼ ସେବକ) ଦୁଧ, ଗୁଡ଼ିଆ ଶାକର ଓ ଣାସବୁକୁ ଉପରୋକ୍ତ ପ୍ରକାରେ ଏକଥର ବଡ଼ଦେଉଳ ପରିକ୍ରମା କରି ଜୟବିଜୟ ଦ୍ୱାରଠାରେ ମହାସୁଆରଙ୍କ ଜିମା ଦେଲେ ମହାସୁଆର ତାକୁ ନେଇ ଛାମୁରେ ବାଢ଼ି ଥାଆନ୍ତି । ହଡ଼ପ ନାୟକ ସେବକ (ମହାପ୍ରଭୁଙ୍କ ପାଇଁ ବିଭିନ୍ନ ନୀତିରେ ରୂପାବଟାରେ ବିଡ଼ିଆପାନ ଯୋଗାଉଥିବା ସେବକ) ହଡ଼ପ (ଖିଲିପାନର ଉପକରଣ) ଘରଠାରୁ ଘଣ୍ଟ, ଛତା, କାହାଳୀ ପଟୁଆରରେ ମୁଖ୍ୟ ମନ୍ଦିର ଭିତର ବେଢ଼ାକୁ ଏକଥର ବୁଲି ଭୋଗ ବାଢ଼ିବା ନିମନ୍ତେ ମହାସୁଆରକୁ ଦେଇଥାଆନ୍ତି । ମୁଦିରସ୍ତ / ମୁଦିହସ୍ତ / ମୁଦିରଥ (ବିବିଧ ନାମରେ ପରିଚିତ ସେବକ, ଗଜପତି ମହାରାଜାଙ୍କ ପ୍ରତିନିଧି ଭାବେ ମହାପ୍ରଭୁଙ୍କ ସେବାକାରୀ) ପ୍ରସାଦ ଲାଗି କରିବା ପରେ ତିନି ବାଡ଼ରେ ତିନି ପୂଜାପଣ୍ଡା ପଞ୍ଚପଚାରରେ ମଣୋହି କରନ୍ତି । ଭୋଗ ସରିବା ପରେ ଶ୍ରୀଜିଉମାନଙ୍କୁ ବନ୍ଦାପନା କରାଯାଏ । ଏ ସଂପର୍କରେ ସ୍କନ୍ଧପୁରାଣର ବିଷ୍ଣୁଖଣ୍ଡରେ ଉଲ୍ଲେଖ ରହିଛି ଯେ, ମହର୍ଷି କଶ୍ୟପ ପୂର୍ବ କଳ୍ପ (ବ୍ରହ୍ମାଙ୍କର ଏକଦିନ ମନୁଷ୍ୟ ଗଣନାରେ ୪୩୨ କୋଟି ବର୍ଷ)ରେ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରୀତି ନିମନ୍ତେ ଶ୍ରୀମନ୍ଦିରରେ ଏହି ମହୋତ୍ସବ ପାଳନ କରିଥିଲେ । ଏହି ନୀତି ସଂପାଦନ ସମୟରେ ଘଣ୍ଟ, ଛତା, କାହାଳୀର ମହାର୍ଘ ପଟୁଆରରେ ହଜାର ହଜାର ଭକ୍ତ ମନ୍ଦିର ପ୍ରଦକ୍ଷିଣ କରନ୍ତି । ବିଶେଷ ଭାବେ ଜଗମୋହନରେ ଶ୍ରୀଜିଉଙ୍କର ଅର୍ପିତ ଅମୃତୋଗମ ମକରଚାଉଳ (ମକରାନ୍ନ କୈବଲ୍ୟ) ବା ମକରଭୋଗ ଲାଭ କରିବା ନିମନ୍ତେ ଦର୍ଶକମାନଙ୍କଠାରେ ପ୍ରବଳ ଆଗ୍ରହ ଦେଖାଦିଏ । ହିନ୍ଦୁ ଧର୍ମ ବିଶ୍ୱାସ ଅନୁସାରେ ଏହି ମକର ସଂକ୍ରାନ୍ତି ଦିନ ଜଗନ୍ନାଥଙ୍କ ଦର୍ଶନରେ ରାଜସୂୟ ଯଜ୍ଞର ଫଳ ପ୍ରାପ୍ତି ହୋଇଥାଏ । ଯେଉଁ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ବିଧିପୂର୍ବକ ବେଢ଼ା ପ୍ରଦକ୍ଷିଣ କରନ୍ତି, ସେମାନେ ପୁଣ୍ୟଲାଭ ସହିତ ମୁକ୍ତିଲାଭ କରିଥାଆନ୍ତି ।

Leave A Reply

Your email address will not be published.