ବଲାଙ୍ଗିର, (କେପିଏନ୍ଏସ୍) : ଫେବୃଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଡିଏଫଓ ନିତୀଶ କୁମାର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାରମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୧୫୩ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୩୪ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୯ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସିନ୍ଧେକେଲା ମାକରିପଡାର କୁମାରୀ ନାଗଙ୍କୁ ୫ ହଜାର ଟଙ୍କା, ଆଗଲପୁର ବ୍ଲକ ଗଣ୍ଡପାଲିର କୁନ୍ଦ ନାଗଙ୍କୁ ୫ ହଜାର ଟଙ୍କାର ସହାୟତା ରାଶି ଚେକ୍ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।
Next Post