ବଲାଙ୍ଗିର, (କେପିଏନ୍ଏସ୍) : ଜୁନ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ଦେଓଗାଁ ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ରିଷିକେଶ ଦ୍ୟାନଦେଓ ଖିଲାରୀ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଦେଓଗାଁ ବିଡିଓ, ତହସିଲଦାର ଓ ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୭୬ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୫୯ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଟ ୧୭ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟାଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ସଇଁତଲା ବ୍ଲକ ଅନ୍ତର୍ଗତ ବାବୁକେଲଗାଁ ଗ୍ରାମର ଦୁଖିଜନ ସେଲମାଙ୍କୁ ୨ ହଜାର ଟଙ୍କା, ବାବୁକେଲଗାଁ ଗ୍ରାମର ଅହଲ୍ୟା ସେଲମାଙ୍କୁ ୫ ହଜାର ଟଙ୍କା, ଦେଓଗାଁ ବ୍ଲକ ଅନ୍ତର୍ଗତ ଗଇଲପିଟା ଗ୍ରାମର ପ୍ରାଣବନ୍ଧୁ ବିଶିଙ୍କୁ ୩ ହଜାର ଟଙ୍କା ଓ କଛାରପାଲି ଗ୍ରାମର କପିଳ କୁମ୍ଭାରଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ଅନୁମୋଦନ କରାଯାଇଥିଲା ।