ଭୁବନେଶ୍ୱର, (ପିଆଇବି) : ରାଜ୍ୟର ବିଭିନ୍ନ ଆଦିବାସୀ ବହୁଳ ଜିଲ୍ଲା ଓ ଗ୍ରାମାଞ୍ଚଳରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି । ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଅଟକିବା ସହିତ କେନ୍ଦ୍ର ସରକାରଙ୍କ ପ୍ରମୁଖ ଯୋଜନା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରଚାର କରିଥିଲା । ସଚେତନତା ବାହାନରେ ଲାଗିଥିବା ଏଲ୍ଇଡି ସ୍କ୍ରିନରେ ମୋଦୀ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ବାର୍ତ୍ତା ପ୍ରସାରଣ କରାଯାଇଥିଲା । ଯାତ୍ରା ରହଣୀସ୍ଥଳରେ ହିତାଧିକାରୀମାନେ ସେମାନଙ୍କର ପଞ୍ଜୀକରଣ କରିବା ସହିତ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ସଂକଳ୍ପ ନେଇଥିଲେ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ସ୍ଥାନୀୟ ଜନପ୍ରତିନିଧି ଏବଂ ସରକାରୀ ହିତାଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି । ଯାତ୍ରାରେ ସ୍ଥାନୀୟ ଜନସମୁଦାୟ ବେଶ୍ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ । ଅନୁରୂପ ଭାବେ କନ୍ଧମାଳ ଜିଲ୍ଲାରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ବହୁସଂଖ୍ୟାରେ ମହିଳା ହିତାଧିକାରୀ ସାମିଲ ହେବା ବେଶ୍ ଉତ୍ସାହପ୍ରଦ ଥିଲା । ପ୍ରଗତି ଧାରାକୁ ଆଗେଇ ନେଇ ରାଉରକେଲା ସହରର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ମାଧ୍ୟମରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ପ୍ରଚାରପ୍ରସାର କରାଯାଇଛି । ଏଥିରେ ବିଭିନ୍ନ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ପଞ୍ଜୀକରଣ କରାଯାଇଥିବା ବେଳେ ପୁରୁଣା ହିତାଧିକାରୀମାନେ କେନ୍ଦ୍ରୀୟ ଯୋଜନାର ସୁଫଳକୁ ନେଇ ନିଜର ଅନୁଭୂତି ବଖାଣିଥିଲେ ।