jayashree

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ଦେୟ ପରିମାଣରେ ବୃଦ୍ଧି

  • ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନ କର୍ମକର୍ତ୍ତାଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି
  • ଉପକୃତ ହେବେ ୧,୨୬,୦୧୦ କର୍ମକର୍ତ୍ତା
  • ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ
  • ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି । ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେସନମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର କାର୍ଯ୍ୟକ୍ରମକୁ କ୍ରୀୟାଶୀଳ କରିବା ଦିଗରେ ଏହି ଫେଡେରେସନମାନଙ୍କର ସ୍ୱତନ୍ତ୍ର ଭୂମିକା ରହିଛି । ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରସନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି ଏ ସଂପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ । ବ୍ଲକସ୍ତରୀୟ ଫେଡେରସନର ସଭାପତି ଓ ସଂପାଦକମାନେ ବୈଠକ ପାଇଁ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ଏବେ ୪,୫୦୦ ଟଙ୍କା ପାଇବେ । ସେହିପରି ଏହାର ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବା ବେଳେ ଏବେ ୨,୫୦୦ ଟଙ୍କା ପାଇବେ । ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଏବଂ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟାମାନେ ପୂର୍ବରୁ ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ । ଏହା ଦ୍ୱାରା ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ । ସୂଚନାଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ୬୭୬ ଜଣ ବ୍ଲକସ୍ତରୀୟ ଫେଡେରସନ ସଭାପତି ଓ ସଂପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୩୦୪୨ । ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନରେ ୧୩,୫୮୮ ଜଣ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୧,୦୮,୭୦୪ । ଏହା ପରି ସମୁଦାୟ ୧,୨୬,୦୧୦ କର୍ମକର୍ତ୍ତା ଉପକୃତ ହେବେ ।

Leave A Reply

Your email address will not be published.