ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶୁଣାଣି ଶିବିରରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ବିଭିନ୍ନ ପ୍ରାନ୍ତରୁ ଆସିଥିବା ଜନସାଧାରଣଙ୍କ ସମସ୍ୟା ଓ ଅଭିଯୋଗଗୁଡ଼ିକୁ ପ୍ରତ୍ୟକ୍ଷ ଭାବେ ଶୁଣିଥିଲେ । ଏହି ଶିବିରରେ ମୋଟ ୬୮ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୪୯ଟି ଏବଂ ସାମୂହିକ ସମସ୍ୟା ସମ୍ବନ୍ଧୀୟ ୧୯ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ଗ୍ରହଣ କରାଯାଇଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ୦୯ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଛି । ଶିବିରରେ ଉପସ୍ଥିତ ସମସ୍ତ ବିଭାଗର ଅଧିକାରୀମାନେ ଦାଖଲ ହୋଇଥିବା ଅଭିଯୋଗଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଥିଲେ । ବିଭିନ୍ନ ଗ୍ରାମରୁ ଆସିଥିବା ଲୋକମାନେ ନିଜ ନିଜର ସମସ୍ୟା ଉପସ୍ଥାପନ କରିଥିବା ବେଳେ, ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସେଗୁଡ଼ିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, ଡେପୁଟି କଲେକ୍ଟର ନିବେଦିତା ସ୍ଵାଇଁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ମିଶ୍ର, ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିତୁଶ୍ରୀ ମେହେର ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.