
- ମୋଟ ୨୦୬ ଗୋଟି ଅଭିଯୋଗର ହେଲା ଶୁଣାଣୀ
ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦାରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଜିଲ୍ଲାପାଳ ହେମକାନ୍ତ ସୟ୍ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଧର୍ମାନନ୍ଦ ବେହେରା, ବାରିପଦା ଉପ-ଜିଲ୍ଲାପାଳ କସ୍ତୁରୀ ପଣ୍ଡା, ବାରିପଦା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ପ୍ରଣୟ ରଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୦୬ ଗୋଟି ଅଭିଯୋଗର ଶୁଣାଣି କରାଯାଇଛି । ଏଥିରେ ୧୭୧ ଗୋଟି ବ୍ୟକ୍ତିଗତ ସମସ୍ୟା ଆଧାରିତ ଥିବାବେଳେ ୩୫ ଗୋଟି ଗ୍ରାମ୍ୟ ସମସ୍ୟା ଆଧାରିତ ଅଭିଯୋଗ ହୋଇଛି । ଏହାସହ ୧୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଓ ୩ ଜଣଙ୍କୁ ରେଡକ୍ରସ୍ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ସେହିପରି ଆଜିର ଜନ ଅଭିଯୋଗ ଶୁଣାଣୀରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ସୟ୍ ନିର୍ଦ୍ଦେଶ ଦେଇଛନ୍ତି । ଜନ ଅଭିଯୋଗ ଶୁଣାଣି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡର ଉପଖଣ୍ଡ ଓ ବ୍ଲକସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରି ସଫଳ କରିଥିଲେ ।