କଟକ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଜିଲ୍ଲାକୁ ଗସ୍ତ କରି ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିଛନ୍ତି । ଯାହା ଦ୍ୱାରା ଉପକୃତ ହେବେ କଟକର ହିତାଧୀକାରୀମାନେ । କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ । କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଏହା ସହ ଜିଲ୍ଲା ପାଇଁ ୧୫ଶହ ଟଙ୍କାର ପ୍ରକଳ୍ପ ଉଦ୍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକ ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିବା ବେଳେ କଟକର ଏସସିବି ମେଡିକାଲ କଲେଜକୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଅନୁଷ୍ଠାନ ଭାବରେ ଗଢିବା ପାଇଁ ସରକାରଙ୍କ ପଦକ୍ଷେପ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଗାମୀ ଦିନରେ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ହୋଇ ରହିବ । କଟକବାସୀଙ୍କ ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସ୍ଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ । ଏହି କାର୍ଯ୍ୟକ୍ରମରେ କଟକରେ ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରତାପ ଜେନା, ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ ।