jayashree

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବକୁ ଉଦ୍‌ଘାଟନ କରିବେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ, (ପିଆଇବି) : ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ପୂର୍ବାହ୍ନ ସାଢ଼େ ୧୧ଟାରୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ । ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ । କଟକ ସାଂସଦ ତଥା ଡ. ହରେକୃଷ୍ଣ ମହତାବଙ୍କ ପୁତ୍ର ଭର୍ତ୍ତୃହରି ମହତାବ ମଧ୍ୟ ଓଡ଼ିଶାର ଏହି ଗୌରବଙ୍କ ପ୍ରଭାବ ଓ ପରମ୍ପରାକୁ ସମ୍ମାନ ଜଣାଇ ଏହି କାର୍ଯ୍ୟକ୍ରମରେ ଯୋଗଦେବେ । ଡକ୍ଟର ହରେକୃଷ୍ଣ ମହତାବଙ୍କ ସମ୍ମାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏକ ସ୍ୱତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ କରାଯିବ । ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ସ୍ୱୟଂଶାସିତ ଅନୁଷ୍ଠାନ ସାହିତ୍ୟ ଏକାଡେମୀ ଆସନ୍ତାକାଲିର କାର୍ଯ୍ୟକ୍ରମରେ ଉନ୍ମୋଚନ ପାଇଁ ଓଡ଼ିଆରେ ମୋନୋଗ୍ରାଫ୍, ଗାଁ ମଜଲିସର ଇଂରାଜୀ ଅନୁବାଦ ଏବଂ ଗାଁ ମଜଲିସର ହିନ୍ଦୀ ଅନୁବାଦ ପ୍ରସ୍ତୁତ କରିଛି । ଏହାବ୍ୟତୀତ ସଂସ୍କୃତି ମନ୍ତ୍ରଣାଳୟ ତରଫରୁ ତାଙ୍କ ଜୀବନ ଓ ପରମ୍ପରା ଉପରେ ଏକ ପ୍ରଦର୍ଶନୀ ରଖାଯାଇଛି । ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ସ୍ୱୟଂଶାସିତ ଅନୁଷ୍ଠାନ ଲଳିତ କଳା ଏକାଡେମୀ ଦ୍ୱାରା ଆୟୋଜିତ ଜାତୀୟ ଚିତ୍ରକଳା ଶିବିରରେ ଅଂଶଗ୍ରହଣ କରି ଗତ କିଛି ଦିନ ହେବ ଦିଲ୍ଲୀରେ ରହିଥିବା ଓଡ଼ିଆ କଳାକାରଙ୍କ କୃତିକୁ ମଧ୍ୟ ଏହି ପ୍ରଦର୍ଶନୀରେ ପ୍ରଦର୍ଶିତ କରାଯିବ । ଶ୍ରୀମତୀ ସୁସ୍ମିତା ଦାସ ଏକ ସଙ୍ଗୀତ କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶାର ସମୃଦ୍ଧ ଇତିହାସ ଓ ସଂସ୍କୃତିପ୍ରତି ସମ୍ମାନ ଅର୍ପଣ କରିବେ । “ଉତ୍କଳ କେଶରୀ” ନାମରେ ପରିଚିତ ଡକ୍ଟର ହରେକୃଷ୍ଣ ମହତାବ ୧୮୯୯ ମସିହା ନଭେମ୍ବର ୨୧ ତାରିଖରେ ଓଡ଼ିଶାର ଆଗରପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ । ସେ ଭାରତ ଇତିହାସରେ ଜଣେ ବହୁମୁଖୀ ନେତା ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ, ରାଜନେତା, ଐତିହାସିକ, ଲେଖକ, ସମାଜ ସଂସ୍କାରକ ଏବଂ ସାମ୍ବାଦିକ ଭାବରେ ପରିଚିତ ଥିଲେ । ସ୍ୱାମୀ ବିବେକାନନ୍ଦ, ରାମକୃଷ୍ଣ ପରମହଂସ ଏବଂ ମହାତ୍ମା ଗାନ୍ଧୀଙ୍କ ଭଳି ବ୍ୟକ୍ତିତ୍ୱଙ୍କ ଦ୍ୱାରା ସେ ଗଭୀର ଭାବରେ ପ୍ରଭାବିତ ହୋଇଥିଲେ । କଲେଜ ଜୀବନରୁ ସେ ସ୍ୱାଧୀନତା ଆନ୍ଦୋଳନରେ ଯୋଗ ଦେଇଥିଲେ । ଅସହଯୋଗ ଆନ୍ଦୋଳନ, ଲବଣ ସତ୍ୟାଗ୍ରହ ଇତ୍ୟାଦି କାର୍ଯ୍ୟକ୍ରମରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିଥିଲେ । ସ୍ଵାଧୀନତା ଆନ୍ଦୋଳନରେ ସକ୍ରିୟତା ପାଇଁ ସେ ଏକାଧିକ ଥର ଗିରଫ ହୋଇଥିଲେ ଏବଂ ଓଡ଼ିଶାକୁ ଭାରତରେ ମିଶ୍ରଣ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଡକ୍ଟର ହରେକୃଷ୍ଣ ମହତାବ ଗଡ଼ଜାତ ରାଜ୍ୟର ଶେଷ ପ୍ରଧାନମନ୍ତ୍ରୀ ଥିଲେ । ପରବର୍ତ୍ତୀ ସମୟରେ ସ୍ୱାଧୀନ ଭାରତର ମୁଖ୍ୟମନ୍ତ୍ରୀ ଭାବରେ ସେ ଓଡ଼ିଶାର ଶିଳ୍ପାୟନ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ରାଜ୍ୟର ଆର୍ଥିକ ବିକାଶ ପାଇଁ ପରାମର୍ଶ ଦେଇଥିଲେ । ହରେକୃଷ୍ଣ ମହତାବ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ବ୍ୟାପକ ଭାବରେ ଲେଖିଥିଲେ । ରାଜ୍ୟର ଐତିହାସିକ ବିବରଣୀ ‘ଓଡ଼ିଶାର ଇତିହାସ’ ସମେତ ତାଙ୍କର ଅନ୍ୟନ୍ୟ କୃତି ପାଇଁ ସେ ପ୍ରଶଂସିତ ହୋଇଥିଲେ ଏବଂ ୧୯୮୩ ମସିହାରେ ‘ଗାଁ ମଜଲିସ’ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସେ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ଏବଂ ୧୯୬୨ରେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ଡକ୍ଟର ହରେକୃଷ୍ଣ ମହତାବ ତାଙ୍କ ଦୃଢ଼ ଇଚ୍ଛାଶକ୍ତି, ସଂକଳ୍ପ ଓ ପ୍ରଭାବ ପାଇଁ ସ୍ମରଣୀୟ ହୋଇ ରହିଛନ୍ତି । ରାଜ୍ୟର ଅନ୍ୟତମ ଅଗ୍ରଣୀ ନେତା ଭାବରେ ସେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ।

Leave A Reply

Your email address will not be published.