ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ବଲାଙ୍ଗିର, (କେପିଏନ୍ଏସ୍) : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆଜି ଲୋଇସିଂହା ବ୍ଲକ ମୁଖ୍ୟାଳୟଠାରେ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ ନାଏକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲ୍ଦାରମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ୍ ୫୦ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୪୩ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଟ ୭ ଗୋଟି ସାମୂହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ୭ଟି ଅଭିଯୋଗ ଶୁଣାଣିର ତୁରନ୍ତ ସମାଧାନ ହୋଇଥିଲା । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ଓ ଜିଲ୍ଲା ରେଡକ୍ରସ୍ ପାଣ୍ଠିରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇନାହିଁ । ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଲୋଇସିଂହା ସିଏଚ୍ସି, ବସ ଷ୍ଟାଣ୍ଡ ଏବଂ କଲେଜ ବୁଲି ଦେଖିଥିଲେ । କାମର ମାନ ପଚାରି ବୁଝିବା ସହ ଶୀଘ୍ର ସାରିବାକୁ ନିର୍ଦେଶ ଦେଇଥିଲେ ।