jayashree

ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଉପସ୍ଥିତ ରହି ଜନସାଧାରଣଙ୍କଠାରୁ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ । ବିଭିନ୍ନ ସମସ୍ୟା ନେଇ ଶିବିରକୁ ଆସିଥିବା ଅଭିଯୋଗକାରୀମାନେ ନିଜ ନିଜର ଅଭିଯୋଗ ଓ ଦାବି ଉପସ୍ଥାପନ କରିଥିଲେ । ଜିଲ୍ଲାପାଳ ସେମାନଙ୍କ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ଯାଞ୍ଚ କରି ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆୟୋଜିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୪୦ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ, ସେଥିମଧ୍ୟରୁ ୪ଟି ଗୋଷ୍ଠୀଗତ ଏବଂ ୩୬ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା । ଏହି ସମସ୍ତ ଅଭିଯୋଗର ତ୍ୱରିତ ଓ ସନ୍ତୋଷଜନକ ସମାଧାନ ନିମନ୍ତେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ । ଶିବିର ସମାପ୍ତି ପରେ ଜିଲ୍ଲାପାଳ କରୁଆଝର ସ୍ଥିତ ଶ୍ରୀରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ସେଠାକାର ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ସହ ବିଦ୍ୟାଳୟର ଶିକ୍ଷାଦାନ ଓ ବିଭାଗୀୟ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।

Leave A Reply

Your email address will not be published.