oom

ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ତଦାରଖ କମିଟି (ଦିଶା) ବୈଠକ ଅନୁଷ୍ଠିତ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ରାଜ୍ୟ ହୋଟେଲ ପରିଚାଳନା ପ୍ରତିଷ୍ଠାନ ସମ୍ମିଳନୀ କକ୍ଷଠାରେ ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ତଦାରଖ କମିଟି (ଦିଶା) ବୈଠକ କମିଟିର ଅଧ୍ୟକ୍ଷା ତଥା ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ଜିଲ୍ଲାପାଳ ଚଞ୍ଚଳ ରାଣା, ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ଟିଟିଲାଗଡ ବିଧାୟିକାଙ୍କ ପ୍ରତିନିଧି ଚନ୍ଦ୍ରବଦନ ପୁରୋହିତ, ରାଜ୍ୟସଭା ସାଂସଦଙ୍କ ପ୍ରତିନିଧି ବିମଲ ମେହେର, ବିଭିନ୍ନ ପଞ୍ଚାୟତ ସମିତିର ଅଧ୍ୟକ୍ଷ, ଅଧ୍ୟକ୍ଷା, ଦିଶା କମିଟିର ମନୋନୀତ ସଦସ୍ୟ ସଦସ୍ୟାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଜିଲ୍ଲାପାଳ ଶ୍ରୀ ରାଣା ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ବୈଠକରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ଆଲୋଚ୍ୟ ବିଷୟ ଉପସ୍ଥାପନା କରିଥିଲେ । ଜିଲ୍ଲାର ସର୍ବାଙ୍ଗୀନ ବିକାଶ ଓ ସମୃଦ୍ଧି ସକାଶେ ବିଭାଗୀୟ ଅଧିକାରୀମାନେ ଉତ୍ତମ ସମନ୍ଵୟ ରଖି ଦାୟିତ୍ଵ ଓ କର୍ତ୍ତବ୍ୟ ସମ୍ପାଦନ କରିବା ସହ ଯୋଜନା ଗୁଡିକର ସୁଫଳ ଯେପରି ତୃଣମୂଳ ସ୍ତରରେ ପହଞ୍ଚିପାରିବ ସେଥିପ୍ରତି ଦୃଷ୍ଟି ଦେବାକୁ କମିଟିର ଅଧ୍ୟକ୍ଷା ଶ୍ରୀମତୀ ସିଂହଦେଓ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ବୈଠକରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ରୀୟ ଯୋଜନା ଗୁଡିକର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ସେ ସମୀକ୍ଷା କରିଥିଲେ । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା ଜରିଆରେ ନିର୍ମାଣ ହେଉଥିବା ରାସ୍ତା ଗୁଡିକର ସ୍ଥିତି ସମ୍ପର୍କରେ ସମୀକ୍ଷା କରି ଅସମ୍ପୂର୍ଣ୍ଣ ରାସ୍ତା ଗୁଡିକର ନିର୍ମାଣ କାର୍ଯ୍ୟ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ଏବଂ ଧାର୍ଯ୍ୟ ମାନଦଣ୍ଡକୁ ବଜାୟ ରଖି ଗୁଣବତ୍ତାକୁ ସୁନିଶ୍ଚିତ କରିବା ସକାଶେ ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଚନ୍ଦନଭାଟି-ଛତାମଖନା ରାସ୍ତା ନିମ୍ନ ମାନର ହୋଇଥିବା ଅଭିଯୋଗ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇ ଏହାର ଗୁଣବତ୍ତା ଉପରେ ସ୍ଵତନ୍ତ୍ର ଯାଞ୍ଚ କରାଯିବା ନିମନ୍ତେ ବଲାଙ୍ଗିର ବିଧାୟକ ଶ୍ରୀ ମିଶ୍ର କମିଟିର ଅଧ୍ୟକ୍ଷାଙ୍କୁ ଅବଗତ କରିଥିଲେ । ଆଲୋଚନା ପରେ ଏ ନେଇ ତଦନ୍ତ କରାଯିବା ନିମନ୍ତେ ବୈଠକରେ ସ୍ଥିର ହୋଇଥିଲା । ସରକାରଙ୍କ ବିଭିନ୍ନ ଯୋଜନାର ରୂପରେଖ ଓ କାର୍ଯ୍ୟକାରିତା ଏବଂ ହିତାଧିକାରୀମାନେ ପାଉଥିବା ସୁବିଧା ସୁଯୋଗ ସମ୍ପର୍କରେ ଏକ ସୂଚନା ପତ୍ର ପ୍ରସ୍ତୁତ କରି ସମସ୍ତ ନିର୍ବାଚିତ ପ୍ରତିନିଧିମାନଙ୍କୁ ଅବଗତ କରିବାକୁ କମିଟିର ଅଧ୍ୟକ୍ଷା ଶ୍ରୀମତୀ ସିଂହଦେଓ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜାତୀୟ ସାମାଜିକ ସୁରକ୍ଷା ଯୋଜନା ସମ୍ପର୍କରେ ସମୀକ୍ଷା କରି ଏହି ଯୋଜନା ମାଧ୍ୟମରେ ଉପକୃତ ହେଉଥିବା ହିତାଧିକାରୀମାନେ ସେମାନଙ୍କ ଭତ୍ତା ପାଇବାରେ ଯେପରି କୌଣସି ଅସୁବିଧା ନହେବ ଏବଂ ସେମାନେ ସହଜ ଓ ସୁବିଧାରେ ଭତ୍ତା ପାଇପାରିବେ ସେଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଥିଲେ । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସମ୍ପର୍କରେ ସମୀକ୍ଷା କରି ଯେପରି ଯୋଗ୍ୟ ହିତାଧିକାରୀମାନେ ଏହି ଯୋଜନାରୁ ବଞ୍ଚିତ ନହେବେ ତାହା ସୁନିଶ୍ଚିତ କରିବା ସହ ଜିଲ୍ଲା ଖାଲି ଥିବା ହିତାଧିକାରୀ ସଂଖ୍ୟା ଯଥାଶୀଘ୍ର ପୂରଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଜାତୀୟ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଯୋଜନା ଜରିଆରେ ନିର୍ମାଣ କରାଯାଉଥିବା ପାଇପ ଜଳ ଯୋଗାଣ ପ୍ରକଳ୍ପ, ଓଭର ହେଡ ଟ୍ୟାଙ୍କ ନିର୍ମାଣ ସମ୍ପର୍କରେ ସମୀକ୍ଷା କରି ଏହାର ଗୁଣବତ୍ତାକୁ ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ଏମଜିଏନଆରଇଜିଏ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ ଓ ସହରାଞ୍ଚଳ, ଜାତୀୟ ସ୍ୱାସ୍ଥ୍ୟ ମିଶନ, ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସେ ସମୀକ୍ଷା କରିଥିଲେ । ବୈଠକ ଶେଷରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସିଂ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.