
ଭୁବନେଶ୍ୱର : ବାତ୍ୟା ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପ୍ରକୋପ । ଆସନ୍ତା ୨୭ ଓ ୨୮ ତାରିଖରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ପାଣିପାଗ ବିଭାଗ ପକ୍ଷରୁ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କାରେ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି ୨୮ ତାରିଖରେ ବର୍ଷାର ପରିମାଣ ଆହୁରି ବଢ଼ିବା ସମ୍ଭାବନା ରହିଛି । ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ୧୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର କେତେକ ଅଞ୍ଚଳରେ ମଧ୍ୟ ଅତି ପ୍ରବଳ ବର୍ଷା ହୋଇପାରେ । ଅନ୍ୟପଟେ, ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୨୮ରୁ ୨୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ ପାଳନ କରିବାକୁ ପରାମର୍ଶ ଦିଆଯାଇଛି ।