ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର

  • ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭ
  • ଟାଟା ଷ୍ଟିଲ ଓ ଜାଗା ମିଶନ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ
  • ୭୦୭ ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
  • ହିଞ୍ଜିଳିକାଟୁ ଓ ଦିଗପହଣ୍ଡି ସଂପୂର୍ଣ୍ଣ ବସ୍ତିମୁକ୍ତ ସହରର ମାନ୍ୟତା ପାଇଲା
  • ଡିସେମ୍ବର ୨୦୨୩ ସୁଦ୍ଧା ସାରା ରାଜ୍ୟ ହେବ ବସ୍ତି ମୁକ୍ତ
  • ଭୂମି ଅଧିକାର ଅଭିଯାନ ସହରର ଗରିବ ଲୋକଙ୍କ ଜୀବନରେ ରୂପାନ୍ତର ଆଣିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସହରର ବସ୍ତିବାସିନ୍ଦା ମାନଙ୍କ ପାଇଁ ଆଜି ସୁଦିନ ଆସିଛି । ଯେଉଁମାନେ ଆମ ସହରକୁ ଗଢନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି ଓ ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ମହାନଗର ନିଗମର ବସ୍ତିବାସିନ୍ଦା ମାନଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ ଆରମ୍ଭ କରି ଏହା କହିଛନ୍ତି । ସ୍ଥାନୀୟ କିଟ୍ କନ୍‌ାଭେନସନ ହଲ୍‌ରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି ବସ୍ତି ଉନ୍ନୟନ ପାଇଁ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ।

୫ଟି ମହାନଗର ନିଗମରେ ବସ୍ତିବାସିନ୍ଦା ମାନଙ୍କୁ ଭୂମି ଅଧିକାର ଦେବା ପାଇଁ ଡ୍ରୋନ ସର୍ଭେକ୍ଷଣ ଆରମ୍ଭ ହୋଇଛି । ଏଥିପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ ବୈଷୟିକ ସହାୟତା ଯୋଗାଇ ଦେବ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଟାଟା ଷ୍ଟିଲ ଫାଉଣ୍ଡେସନ ଓ ଜାଗା ମିଶନ ମଧ୍ୟରେ ଏହି କାର୍ଯ୍ୟକ୍ରମ ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୩୩ଟି ସହରାଞ୍ଚଳର ୭୦୭ଟି ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କରିଥିଲେ ଏବଂ ହିଞ୍ଜିଳିକାଟୁ ଓ ଦିଗପହଣ୍ଡି ଆଜି ଠାରୁ ସଂପୂର୍ଣ୍ଣ ବସ୍ତିମୁକ୍ତ ସହର ହେବାର ନୂଆ ପରିଚୟ ପାଇଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହା ବ୍ୟକ୍ତିଗତ ଭାବେ ତାଙ୍କ ପାଇଁ ବହୁତ ଖୁସିର ବିଷୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜମି ଅଧିକାର ସହିତ ବସ୍ତି ଅଞ୍ଚଳକୁ ମୌଳିକ ସୁବିଧା ଯୋଗାଇ ଦିଆଯାଇ ବିଜୁ ଆଦର୍ଶ କଲୋନୀ ଗଠନ କରାଯାଉଛି । ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ଏବଂ ସାରା ରାଜ୍ୟ ବସ୍ତିମୁକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଜାଗା ମିଶନ କାର୍ଯ୍ୟକ୍ରମ ସାରା ବିଶ୍ୱରେ ସୁନାମ ପାଇଛି । ଭାରତ ସରକାର ମଧ୍ୟ ଏହି ନୂଆ ଚିନ୍ତାଧାରା ପାଇଁ ପୁରସ୍କାର ଦେଇଛନ୍ତି । ଏ ମିଶନର ଫୋକସ ହେଉଛି People first । ଜାଗା ମିଶନରେ ଆଜି ପର୍ଯ୍ୟନ୍ତ ରାଜ୍ୟର ୧୦୫ଟି ସହରର ବସ୍ତି ଅଞ୍ଚଳର ୧ ଲକ୍ଷ ୭୦ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଛି । ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ଅଢେଇ ଲକ୍ଷ ବସ୍ତି ପରିବାରକୁ ଭୂମି ଅଧିକାର ଦିଆଯିବ ବୋଲି ସେ ଘୋଷଣା କରିଥିଲେ । ନିଜର ଜାଗାଟିଏ ଓ ଘରଟିଏ ଥିଲେ, ଆମର ସ୍ୱାଭିମାନ ବଢିଥାଏ । ଆମର ଏ ଅଭିଯାନ ସହରର ଗରିବ ଲୋକଙ୍କ ଜୀବନରେ ରୂପାନ୍ତର ଆଣିବ, ଏହା ତାଙ୍କର ଦୃଢ ବିଶ୍ୱାସ ବୋଲି ସେ କହିଥିଲେ ।

୨୦୧୭ରୁ ଆରମ୍ଭ ହୋଇଥିବା ଜାଗା ମିଶନକୁ ଏକ ଆଧ୍ୟାତ୍ମିକ ଯାତ୍ରା (Spiritual journey) ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ଯାତ୍ରା ବର୍ତ୍ତମାନ ସୁଦ୍ଧା ଆମ ପାଇଁ ଯଥେଷ୍ଟ ସଫଳତା ଓ ସନ୍ତୋଷ ଆଣି ପାରିଛି ।

ବସ୍ତିର ବିକାଶରେ ବସ୍ତି ଉନ୍ନୟନ ସଂଘ ଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସଂଘ ଗୁଡିକୁ ଆମେ ସରକାରଙ୍କ ଚତୁର୍ଥ ସଂଘ ଭାବେ ମାନ୍ୟତା ଦେଇଛୁ ଏବଂ ସେମାନଙ୍କ ବିକାଶ ଓ ଶାସନତନ୍ତ୍ର ବ୍ୟବସ୍ଥାରେ ଭାଗିଦାର ହେବାର ସୁଯୋଗ ଦେଇଛୁ । ବସ୍ତି ଉନ୍ନୟନ ସଂଘ ଗୁଡିକ ହିଁ ବିଜୁ ଆଦର୍ଶ କଲୋନୀର ପରିଚାଳନା କରିବେ । ବସ୍ତି ସମୁହର ଭିତ୍ତିଭୂମି ବିକାଶ ପାଇଁ ପୌରସଂସ୍ଥା ବଜେଟରେ ୨୫ ପ୍ରତିଶତ ଏହି ସଂଘ ଗୁଡିକୁ ପ୍ରଦାନ କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସହର ଗୁଡିକ ଯେପରି ବସ୍ତିମୁକ୍ତ ହୋଇ ରହିବ, ବସ୍ତି ସୃଷ୍ଟି ହେବାର କାରଣର ଅନୁସଂଧାନ କରି ତାର ନିରାକରଣ ପାଇଁ ରାଜ୍ୟ ସରକାର ପାଇଲଟ ପ୍ରୋଗ୍ରାମ ଆରମ୍ଭ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଓ ଅଭିବୃଦ୍ଧିର ସୁଫଳ ଉପରେ ଦେଶର ଗରିବ ଲୋକଙ୍କର ସମାନ ଅଧିକାର ଅଛି । ଗରିବ ଲୋକଙ୍କୁ ସାମାଜିକ ଓ ଆର୍ଥିକ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆମେ ଚୁପ ହୋଇ ବସି ପାରିବୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ବସ୍ତି ବିକାଶ କାର୍ଯ୍ୟକ୍ରମ ସହରର ଗରିବ ଲୋକଙ୍କୁ ସମାନ ଅଧିକାର ଓ ନ୍ୟାୟ ପ୍ରଦାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ରାଜ୍ୟର ୧୭ ଲକ୍ଷ ବସ୍ତିବାସିନ୍ଦାଙ୍କ ଜୀବନରେ ଦୀର୍ଘସ୍ଥାୟୀ ଖୁସି ଆଣିବା ପାଇଁ ଆମର ଏହି ଆଧ୍ୟାତ୍ମିକ ଯାତ୍ରା ତାର ଭୂମିକା ଗ୍ରହଣ କରି ଚାଲିବ ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ଯୋଗଦେଇ ରାଜ୍ୟର ସହର ଗୁଡିକର ବିଶେଷ କରି, ବସ୍ତି ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ସାରା ଦେଶରେ ଏଭଳି ପଦକ୍ଷେପ ଅନନ୍ୟ ବୋଲି ସେ କହିଥିଲେ ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ୱାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

କାର୍ଯ୍ୟକ୍ରମର ବିଭିନ୍ନ ସହରାଞ୍ଚଳରେ ମନ୍ତ୍ରୀ, ସାଂସଦ, ବିଧାୟକ, ମେୟର ଓ ପୌର ପରିଷଦ ଅଧ୍ୟକ୍ଷମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.