ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫୁଲ୍ଲ କୁଜୂର ଏବଂ ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଦୀପ ସାହୁଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ, ବିଭିନ୍ନ ବିଭାଗର ଅଧିକାରୀ, ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର କର୍ମକର୍ତ୍ତା ଓ ଗଣ ମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସେଠୀ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ ଆଲୋଚ୍ୟ ବିଷୟ ଉପସ୍ଥାପନ କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ୧୫ ଅଗଷ୍ଟ ଦିନ ପ୍ରାତଃ ୪ଟା ସମୟରେ ରାମଧୁନ, ସକାଳ ୬ରୁ ୭ଟା ମଧ୍ୟରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତ ଫେରି, ସକାଳ ୭ରୁ ୮ଟା ମଧ୍ୟରେ ସରକାରୀ, ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ, ସକାଳ ୭.୩୦ରୁ ୮ଟା ମଧ୍ୟରେ ସହରରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ସକାଳ ୯.୧୫ ସମୟରେ ମନୋହରପୁର ରିଜର୍ଭ ପୋଲିସ ପଡିଆରେ ଆନୁଷ୍ଠାନିକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଦିବସର ମୁଖ୍ୟ ଅତିଥି ଆନୁଷ୍ଠାନିକ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ର ଅଭିବାଦନ ଗ୍ରହଣ କରିବେ । ସମ୍ମିଳିତ ପ୍ୟାରେଡ୍‌ରେ ହୋମ୍‌ ଗାର୍ଡ, ଏନ୍‌ସିସି, ସ୍କାଉଟ୍‌, ଗାଇଡ୍‌, ରେଡ୍‌କ୍ରସ୍‌ ଓ ସିଭିଲିଆନ୍‌ ଦଳ ଅଂଶ ଗ୍ରହଣ କରିବେ । ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ସଂଗୀତ, ଚିତ୍ରାଙ୍କନ, ସ୍ଵାଧୀନତା ସଂଗ୍ରାମୀ ବେଶ, ଓଡିଆ, ଇଂରାଜୀ ପ୍ରବନ୍ଧ ଓ ବକ୍ତୃତା, ହିନ୍ଦୀ ବକ୍ତୃତା ପ୍ରତିଯୋଗିତା ଆଗାମୀ ୩ ତାରିଖ ଠାରୁ ୮ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଏତଦବ୍ୟତୀତ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଜିଲ୍ଲାକୁ ଗର୍ବାନ୍ଵିତ କରିଥିବା ପ୍ରତିଭା ମାନଙ୍କୁ ପୁରସ୍କୃତ କରାଯିବ । ପ୍ୟାରେଡ୍‌ ଉତ୍ସବ ପରେ ଜିଲ୍ଲା କାରାଗାରର ଅନ୍ତେବାସୀ, ଭୀମ ଭୋଇ ମେଡିକାଲ୍‌ କଲେଜ୍‌ ଓ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ରୋଗୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ ସହ ପୁଇଁତଳା ସ୍ଥିତ କୁଷ୍ଠ କଲୋନୀ ଅନ୍ତେବାସୀଙ୍କୁ ବସ୍ତ୍ର ବଣ୍ଟନ କରାଯିବ । ବୈଠକ ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.