ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରବ ଶିବାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କୁ ସମୁଦାୟ ୭୬ଟି ଅଭିଯୋଗ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୭୩ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୩ ଗୋଟି ସାମୁହିକ ଅଭିଯୋଗ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରି ୧୧ଟି ମାମଲାର ଶୁଣାଣିର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଡା. ବିଜୟାନନ୍ଦ ସେଠୀ, ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ବଲାଙ୍ଗିର ଉପ ଜିଲ୍ଲାପାଳ, ଆଲୋକ କୁମାର ପଟେଲ, ଆସିଷ୍ଟାଣ୍ଟ କଲେକ୍ଟର (ସାଧାରଣ ଓ ବିବିଧ) ରାମ ନାରାୟଣ ମିଶ୍ର ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏହି ଜନ-ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ । ସ୍ନିଗ୍ଧା ରାଣୀ ତ୍ରିପାଠୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Leave A Reply

Your email address will not be published.