ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ । ହିନ୍ଦୁମାନଙ୍କର ଏହା ଏକ ମୂଖ୍ୟ ପର୍ବ । ଦ୍ଵାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ । ଏହା ଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର । କଂସ ଦ୍ଵାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମଲାଭ କରିଥିଲେ । ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ । ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ । ପୃଥିବୀକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷା କରି ସେ ଜନ୍ମ ନେଇଛନ୍ତି । ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ । ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା ବିଜୁଳି କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଲେ । ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରାତିରେ ବାହାରିଲେ । ଜଗନ୍ନାଥ ଦାସଙ୍କ ଭାଗବତରେ ବର୍ଣ୍ଣିତ କଥାମୃତ ଅନୁଯାୟୀ ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହୋଇଗଲା, ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିଗଲା ଏବଂ ବନ୍ଦିଶାଳାର ଦ୍ଵାର ମଧ୍ୟ ଆପେ ଆପେ ଖୋଲିଗଲା । ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହୋଇ ଗୋପପୁର ଗଲେ । ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କି ଚାଲିଲେ । ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦ ଘରେ ଛାଡିଥିଲେ ବସୁଦେବ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ । ଓଡ଼ିଶାର ପୁରପଲ୍ଲୀରେ ଏହି ଉତ୍ସବ ମହାସମାରୋହରେ ପାଳନ କରାଯାଏ । ଏହିଦିନ ଲୋକେ ଉପବାସ ରଖିଥାନ୍ତି ଓ ରାତ୍ରି ୧୨ ଘଟିକାକୁ କୃଷ୍ଣଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗିଥାନ୍ତି । ଏହିଦିନ ଗାଁର ଭାଗବତ ଟୁଙ୍ଗୀମାନଙ୍କରେ ଅଥବା କାହାରି ଘର ବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ । ଏହି ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ଡେଲାଙ୍ଗର ବିଭିନ୍ନ ପୁର ପଲ୍ଲୀରେ ଘର, ମଠ ମନ୍ଦିର, ଭଗବତ ଟୁଙ୍ଗି ଗୁଡିକରେ ଭକ୍ତ ଶ୍ରଦ୍ଧାଳୁମାନେ ଉତ୍ସାହ ଉଦ୍ଦୀପନାର ସହିତ ଭଗବାନ ପ୍ରଭୁ ଶ୍ରୀକୃଷ୍ଣ ପୂଜାର୍ଚ୍ଚନା କରିଛନ୍ତି । ଘୋରଡ଼ିଆ ଗ୍ରାମର ରାଧାକାନ୍ତ ଦେବ ମଠ, ରାଧାମୋହନ ଦେବ ମଠ ଓ ପତିତପାବନ ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି । ଏଠାରେ ଭକ୍ତ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ।