୨ୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨ୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଗତକାଲି ଠାରୁ ଆରମ୍ଭ ହୋଇଯାଇଛି । ୧ମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲ ରୂପାନ୍ତର ହୋଇଥିବା ବେଳେ ୨ୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଜି ଖୋର୍ଦ୍ଧା, ବୌଦ, ମାଲକାନଗିରି, ସୋନପୁର ଓ ମୟୁରଭଂଜର ୫୩୨ଟି ରୂପାନ୍ତରିତ ସ୍କୁଲକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ । ଜୀବନର ଏ ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.