pakka

ଆସନ୍ତା ୨୦ ଯାଏ ରାଜ୍ୟରେ ଲଘୁଚାପର ପ୍ରଭାବ ରହିବ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉତ୍ତର – ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଦିନ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଦକ୍ଷିଣ – ପଶ୍ଚିମ ଆଡ଼କୁ ଢଳି ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି । ଏଥିସହ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହି ଦୁଇ ପାଣିପାଗ ନିୟାମକ ପ୍ରଭାବରେ ରାଜ୍ୟ‌ର ଅଧିକାଂଶ ଜିଲ୍ଲାରେ ସୋମବାର ଦିନ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖ ଆଡ଼କୁ ଉତ୍ତର – ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗ ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରବାହ ଯୋଗୁଁ ମୋଟ ୨୭.୩ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୧୩.୫ ମିମି ତୁଳନାରେ ୧୦୩% ଅଧିକ । ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଭଲ ବର୍ଷା ହୋଇଥିବା ବେଳେ ସୋମବାର ଦିନ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିର, ସୁବର୍ଣ୍ଣପୁର, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ତାରିଖ ଦିନ ମଧ୍ୟ ରାଜ୍ୟରେ ବିଭିନ୍ନ ସ୍ଥାନରେ ଏହିଭଳି ବର୍ଷା ଜାରି ରହିବ । ୨୦ ତାରିଖ ଆଡ଼କୁ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହୁଛି । ଫଳରେ ଜୁନ୍‌ ଓ ଜୁଲାଇ ୧୪ ତାରିଖ ଯାଏ ରାଜ୍ୟରେ ହୋ‌ଇଯାଇଥିବା ନିଅଣ୍ଟିଆ ବର୍ଷା ସ୍ଥିତି ଏହି ବର୍ଷାରେ ଭରଣା ହୋଇଯିବ ବୋଲି ଆଶା କରାଯାଉଛି । ଆଜି ରାଜଧାନୀରେ ପାଗ ମେଘୁଆ ରହିବ। ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୨୮ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ ।

jay balangir
Leave A Reply

Your email address will not be published.

eleven − 11 =