ଭବାନୀପାଟଣା : କଳାହାଣ୍ଡି ଆଜି ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଥିଲେ । ଆଜି ୫୪ଟି ପ୍ରକଳ୍ପର ଉଦ୍ଘାଟନ ଓ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଜୟପାଟଣା ବ୍ଲକ୍ର ମଙ୍ଗଳପୁର ଠାରେ ଆୟୋଜିତ ସଭାରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ, ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସଂପର୍କର ସ୍ମୃତିଚାରଣ କରିଛନ୍ତି ।
କୃଷି କ୍ଷେତ୍ରରେ କଳାହାଣ୍ଡିର ବିକାଶର ଉଚ୍ଚ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଥିଲେ ଯେ ଭୋକର ଭୂଗୋଳ କୁହାଯାଉଥିବା କଳାହାଣ୍ଡି ଏବେ ଭାତହାଣ୍ଡି ହୋଇ ପାରିଛି । କଳାହାଣ୍ଡି ଧାନ ଉତ୍ପାଦନରେ ରାଜ୍ୟରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ମଧ୍ୟ ଚାଉଳ ଯୋଗାଉଛି । ୧୦ଟି ରାଜ୍ୟ କେନ୍ଦ୍ରୀୟ ଭଣ୍ଡାରକୁ ଯେତିକି ଚାଉଳ ଯୋଗାଉଛନ୍ତି, କଳାହାଣ୍ଡି ଏକାକୀ ସେତିକି ଚାଉଳ ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ ଉତ୍ସାହର ସହ କହିଥିଲେ। କଳାହାଣ୍ଡିର ଚାଷୀ ତଥା ସମସ୍ତ ଜନସାଧାରଣଙ୍କ ଦୃଢ ଇଚ୍ଛା ଶକ୍ତି, ଗଭୀର ଆତ୍ମ ବିଶ୍ୱାସ ଓ କଠିନ ପରିଶ୍ରମ ଯୋଗୁଁ ଏ ସବୁ ସମ୍ଭବ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ, ଇନ୍ଦ୍ରବାତୀ ଆମର ମା ଏବଂ କଳାହାଣ୍ଡିର ଜୀବନରେଖା । ସେ ତାର ପ୍ରତିଟି ଜଳବିନ୍ଦୁ ଦେଇ କଳାହାଣ୍ଡିକୁ ଆଜି ସମୃଦ୍ଧ କରିଛି । କଳାହାଣ୍ଡିବାସୀଙ୍କ ଦେହରେ ତାର ପାଣି ରକ୍ତ ହୋଇ ବୋହୁଛି । ଇନ୍ଦ୍ରାବତୀର ଏହି ମହାନ୍ ଅବଦାନକୁ ସମ୍ମାନ ଜଣାଇ ଏଠାରେ ଏକ ସଂଗ୍ରହାଳୟ ଓ ଉଦ୍ୟାନ ନିର୍ମାଣ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।ଏହି ସଂଗ୍ରହାଳୟ ସାରା ବିଶ୍ବକୁ କଳାହାଣ୍ଡିର ରୂପାନ୍ତରର କାହାଣୀ କହିବ ବୋଲି ମଧ୍ୟ ସେ କହିଥିଲେ।
ଆଜି ଉଦ୍ଘାଟିତ ଓ ଶିଳାନ୍ୟାସ କରାଯାଇଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରେ ମେଗା ଉଠା ଜଳସେଚନ ବ୍ୟବସ୍ଥା, ଫୁଡ ପାର୍କ, ନୂଆ ବିଦ୍ୟୁତ ଫିଡର ଲାଇନ, ଭବାନୀପାଟଣାରେ ନୂଆ ବସ୍ଷ୍ଟାଣ୍ଡ, ରାସ୍ତାଘାଟ, ସେତୁ ଆଦି ବିଭିନ୍ନ ପ୍ରକଳ୍ପ ସାମିଲ୍ ରହିଛି । ଏହି କାର୍ୟ୍ୟକ୍ରମରେ ମନ୍ତ୍ରୀ ଟୁକୁନି ସାହୁ, ରଘୁନନ୍ଦନ ଦାସ ଓ ଦିବ୍ୟ ଶଙ୍କର ମିଶ୍ର ପ୍ରମୁଖ ଉଦବୋଧନ ଦେଇଥିଲେ ।