
ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଏହି ନୀତିରେ ଦ୍ଵିତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନ ସାମଗ୍ରୀ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଝଟକିବ ମହାପ୍ରଭୁ ଶ୍ରୀମୁଖ । ବନକଲାଗି ନୀତି ସରିବା ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ । ଏହା ପରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ଅନୁମତି ମିଳିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।