jayashree

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି

  • ୧୯ ପାଳି ସୁଦ୍ଧା ୯୫ ପ୍ରତିଶତ ସମାଧାନ
  • ଜିଲ୍ଲାସ୍ତରରେ ୮୭ ପ୍ରତିଶତ ଅଭିଯୋଗର ସମାଧାନ
  • ମୁଖ୍ୟମନ୍ତ୍ରୀଙ୍କ ସହିତ ୧୦ଜଣ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଲେ
  • ୧୬ ଜଣ ଦୂରାରୋଗ୍ୟ ପୀଡିତଙ୍କ ପାଇଁ ୧୪.୫୦ ଲକ୍ଷ ଟଙ୍କା ତୁରନ୍ତ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ଆମ ଶାସନ ବ୍ୟବସ୍ଥାର ମୂଳନୀତି ହେଉଛି- ସହାନୁଭୂତି, ସମବେଦନା ଓ ସହୃଦୟତା- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆମ ଶାସନ ବ୍ୟବସ୍ଥାର ମୂଳନୀତି ହେଉଛି- ସହାନୁଭୂତି, ସମବେଦନା ଓ ସହୃଦୟତା । ଲୋକଙ୍କ ସମସ୍ୟା ଶୁଣି, ତା’ର ସମାଧାନ କରିବା ଆମ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି ଆଜି ୨୦ତମ ରାଜ୍ୟସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମ ଆଗରେ ବିବୃତି ରଖି କହିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ସକାଳେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୧୦ଜଣ ବରିଷ୍ଠ ମନ୍ତ୍ରୀ ଏବଂ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ସମସ୍ୟାକୁ ସହୃଦୟତାର ସହ ଶୁଣି ତା’ର ସମାଧାନ କରିବାକୁ ଆମ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଉଛନ୍ତି । ଯେଉଁଠି ଲୋକଙ୍କ ସମସ୍ୟା ଅଛି, ଆମ ସରକାର ସେଠାରେ ନିଶ୍ଚୟ ପହଞ୍ଚିଥାନ୍ତି । ବନ୍ୟା, ବାତ୍ୟା, ମରୁଡି ଆଦି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସବୁବେଳେ ଲୋକଙ୍କ ପାଖରେ ଆମେ ପହଞ୍ଚୁଛୁ ଓ ସେମାନଙ୍କୁ ସହାୟତା ପ୍ରଦାନ କରୁଛୁ । ୨୦୨୪ ମସିହାର ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ରୂପେ ଘୋଷଣା କରି ଆମେ ସହାୟତା ପ୍ରଦାନ କରିଥିଲୁ । ଚଳିତ ବନ୍ୟା ପାଇଁ ମଧ୍ୟ ସହାୟତା ପ୍ୟାକେଜ ପ୍ରଦାନ କରିଛୁ । ଆମ ସରକାର ଲୋକଙ୍କ ସୁଖ ଦୁଃଖରେ ଅଛି ଓ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସୂଚନାଯୋଗ୍ୟ ଯେ, ପୂର୍ବରୁ ରାଜ୍ୟସ୍ତରରେ ଅନୁଷ୍ଠିତ ୧୯ଟି ପାଳିରେ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ୧୫,୩୨୭ ଅଭିଯୋଗ ମଧ୍ୟରୁ ୧୪,୫୧୯ ଅର୍ଥାତ ୯୫ ପ୍ରତିଶତ ଅଭିଯୋଗର ସଫଳ ସମାଧାନ କରାଯାଇସାରିଛି । ଏଥି ସହିତ ଜିଲ୍ଲାସ୍ତରରେ ଜିଲ୍ଲାପାଳ ଓ ଏସ୍.ପିମାନେ ନିୟମିତ ଭାବେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣୁଥିବା ବେଳେ ତହସିଲ ଓ ବ୍ଲକ ସ୍ତରରେ ମଧ୍ୟ ଅଭିଯୋଗ ଶୁଣାଣି ନିୟମିତ ରୂପେ ଚାଲିଛି । ଜିଲ୍ଲାସ୍ତରରେ ଜୁଲାଇ ମାସ ଶେଷ ସୁଦ୍ଧା ୨,୬୯,୩୯୪ ଅଭିଯୋଗ ଶୁଣାଣି ହୋଇ ୮୭ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି । ଜିଲ୍ଲାସ୍ତରରେ ଅନେକ ସମସ୍ୟାର ସମାଧାନ ହୋଇଯାଉଥିବାରୁ ଲୋକଙ୍କୁ ଆଉ ଅଯଥା ହଇରାଣ ହେବାକୁ ପଡୁନାହିଁ । ପ୍ରଶାସନିକ ବ୍ୟବସ୍ଥାରେ ଏହି ପରିବର୍ତ୍ତନ ଫଳରେ ସରକାରଙ୍କ ଉପରେ ସାଧାରଣ ଲୋକଙ୍କ ଭରସା ଓ ଆସ୍ଥା ବହୁଗୁଣିତ ହୋଇଛି । ସବୁଥର ପରି ଆଜି ମୁଖ୍ୟମନ୍ତ୍ରୀ ସକାଳେ ପ୍ରଥମେ ଆସି ବାହାରେ ଅପେକ୍ଷା କରିଥିବା ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ । ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ । ବିଭିନ୍ନ ଦୁରାରୋଗ୍ୟ ରୋଗରେ ପୀଡ଼ିତ ୧୬ ଜଣଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୧୪.୫୦ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି । ଆଜି ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଜରିଆରେ ୬୦୦ରୁ ଉର୍ଦ୍ଧ୍ୱ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୁଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଜଙ୍ଗଲ, ପରିବେଶ ଓ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

Leave A Reply

Your email address will not be published.