
ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଶନିବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ସକାଳ ସମୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨ ଦିନ ଯାଏଁ ଧିରେ ଧିରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୩ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ଵର ଓ ଭଦ୍ରକରେ ଅଧିକ ବର୍ଷା ହୋଇପାରେ । ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ସେହିପରି ସୋମବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଅତିପ୍ରବଳ ବର୍ଷା ହୋଇପାରେ । ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧ ତାରିଖରେ ନୟାଗଡ଼, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।