centurian jitm

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ

  • ପ୍ରକୃତ ଦୋଷୀକୁ ଧରାଯାଇ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ – ଭରସା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି । ସ୍ୱର୍ଗତ ଦାସଙ୍କ ପତ୍ନୀ ଶ୍ରୀମତୀ ମୀନତି ଦାସ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ଆଲୋଚନା ସମୟରେ ତାଙ୍କ କନ୍ୟା ପୂର୍ବତନ ବିଧାୟକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ । ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ । ଶ୍ରୀମତୀ ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ । ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ଶ୍ରୀମତୀ ଦାସ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.