jayashree

ପରଲୋକରେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ

ଭୁବନେଶ୍ୱର : ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଯାଇଛି । ୮୧ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି । ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି । ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଦାମ ରାଉତଙ୍କ ଚିକିତ୍ସା ଜାରି ରହିଥିଲା । ହୃଦ୍‌ଘାତ ପରେ ଦାମୋଦର ଗୁରୁତର ହୋଇଥିଲେ । ତିନିମାସ ତଳେ ଦାମୋଦର ରାଉତ ମଧ୍ୟ ଅସୁସ୍ଥ ହୋଇପଡ଼ିଥିଲେ । ଯକୃତରେ ପାଣି ଜମିଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ସୁସ୍ଥ ହେବା ପରେ ସେ ଘରକୁ ଫେରିଥିଲେ । ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ଼ ରାଜନେତା ଭାବେ ଜଣାଶୁଣା ଥିଲେ । ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ଏକାଧିକ ଥର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ । ସାତ ଥର ବିଧାୟକ ହେବା ସହିତ ସେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ସୂଚନା ପ୍ରଯୁକ୍ତିବିଦ୍ୟା, ସାମାଜିକ କଲ୍ୟାଣ, ପଞ୍ଚାୟତିରାଜ ଓ ଅବକାରୀ, ମହିଳା ଓ ଶିଶୁ ବିକାଶ, ସୂଚନା ଓ ଲୋକସଂପର୍କ, ସଂସ୍କୃତି, କୃଷି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଉନ୍ନୟନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ବିଭାଗରେ ମନ୍ତ୍ରୀ ଥିଲେ ।

Leave A Reply

Your email address will not be published.