ଭାଇ ଭଉଣୀ ପ୍ରେମ ଯୁଗେ ଯୁଗେ ପବିତ୍ର ଓ ଅତୁଟ । ଭାଇଟିଏ ନିଜ ଭଉଣୀର ରକ୍ଷା କରିବା ଦିଗରେ ନିଜକୁ ମଧ୍ୟ ଭୁଲିଯାଇ ପାରେ । ଭାଇ ଭଉଣୀ ସମ୍ପର୍କଠାରୁ ଅତି ପବିତ୍ର ସମ୍ପର୍କ ଦୁନିଆରେ ନଥିବ ।
ଭାଇ ଭଉଣୀ ସମ୍ପର୍କ ଦୁନିଆର ସବୁଠାରୁ ପବିତ୍ର ସମ୍ପର୍କ ଆଉ ସେହି ସମ୍ପର୍କକୁ ସବୁଦିନ ସ୍ନେହ ମମତାରେ ବାନ୍ଧି ରଖିବା ପାଇଁ ତିଆରି ହୋଇଛି ଏକ ଦଉଡି ଆଉ ସେହି ଦଉଡି ହେଉଛି ରାକ୍ଷୀର ଦଉଡି । ପ୍ରତ୍ୟେକ ଭଉଣୀ ଏହି ରାକ୍ଷୀ ବାନ୍ଧି ନିଜ ଭାଇ ଏବଂ ତା’ ମଧ୍ୟରେ ଥିବା ସମ୍ପର୍କକୁ ସ୍ନେହ ମମତାର ସହ ବାନ୍ଧି ରଖିଥାଏ ।
ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଭାଇ ଓ ଭଉଣୀମାନଙ୍କ ମଧ୍ୟରେ ଦେଖା ଦେଇଛି ବେଶ୍ ଉତ୍ସାହ ଓ ଉଦ୍ଦୀପନା । ରାକ୍ଷୀ ପୂର୍ଣ୍ଣିମାକୁ ଗହ୍ମା ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ଥିବା ବନ୍ଧୁତ୍ୱକୁ ଦୃଢ କରିଥାଏ । ଏହି ଦିନ ଭଉଣୀ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ୱଳ ଭବିଷ୍ୟତ କାମନା କରିଥାଏ, ବଦଳରେ ଭାଇ ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।
ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହୋଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜେ୍ଞାପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜାବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି । ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ଼ ଭକ୍ତ ଥିଲେ, ତାଙ୍କ ଉପରେ କୌ÷ଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗ କରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କ’ଣ ଚାହୁଛନ୍ତି ଜାଣିବା ପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।
ମହାଭାରତରେ ମଧ୍ୟ ଏପରି ଏକ ପୌରାଣିକ କାହାଣୀ ରହିଛି । କାହାଣୀଟି କୃଷ୍ଣ ଓ ଦ୍ରୌପଦୀଙ୍କୁ ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି କ୍ଷତ ସ୍ଥାନରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହୋଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।
ଇତିହାସରେ ମଧ୍ୟ ରହିଛି ରକ୍ଷାବନ୍ଧନ । ଯଦିଓ ଏହାପଛରେ ରହିଛି ରାଜନୈତିକ ଅଭିସନ୍ଧି, ତେବେ ବି ରାକ୍ଷୀ ବାନ୍ଧିଥିବା ଭଉଣୀର ସମ୍ମାନ ରକ୍ଷା ପାଇଁ ଭାଇ ପଛଘୁଞ୍ଚା ଦେଇନାହିଁ ।
ପ୍ରଥମ ଘଟଣାଟି ହେଲା ଖ୍ରୀଷ୍ଟପୂର୍ବ ୩୦୦ ବର୍ଷ ତଳର । ମାସିଡୋନିଆର ସମ୍ରାଟ ଆଲେକଜାଣ୍ଡାର ଭାରତ ଉପରେ ବିଜୟ ଲାଭ ପାଇଁ ଅଗ୍ରସର ହେଉଥିବା ବେଳେ ରାଜା ପୁରୁଙ୍କ ସମ୍ମୁଖୀନ ହୋଇଥିଲେ । ପ୍ରଥମ ଥର ପୁରୁଙ୍କଠାରୁ ଆଲେକଜାଣ୍ଡାର ପରାସ୍ତ ହେଲେ । ସେତେବେଳେ ଆଲେକଜାଣ୍ଡାରଙ୍କ ପତ୍ନୀ ପୁରୁଙ୍କ ନିକଟକୁ ଏକ ରାକ୍ଷୀ ପ୍ରେରଣ କରିଥିଲେ । ପୁରୁ ତାଙ୍କୁ ନିଜର ଭଉଣୀ ଭାବେ ଗ୍ରହଣ କରିଥିଲେ ।
ଅନ୍ୟ ଘଟଣାଟି ହେଲା ରାଣୀ କର୍ଣ୍ଣାବତୀ ଓ ସମ୍ରାଟ ହୁମାୟୁନଙ୍କୁ ନେଇ । ମଧ୍ୟ ଯୁଗର ରାଜପୁତ ଯୋଦ୍ଧମାନେ ପରାକ୍ରମୀ ଥିଲେ । ସେମାନେ କୌଣସି ଆକ୍ରମଣକାରୀ ସତ ପ୍ରାଣ ଦେଇ ଲଢୁଥିଲେ । ଏମିତି ଏକ ଯୁଦ୍ଧରେ ଚିତୋରର ରାଣୀ କର୍ଣ୍ଣାବତୀ ସ୍ୱାମୀଙ୍କୁ ହରାଇବା ପରେ ଯେତେବେଳେ ଅନୁଭବ କଲେ ଯେ, ସୁଲତାନ ବାହାଦୁରଶାହାଙ୍କୁ ପ୍ରତିହତ କରାଯାଇପାରିବ ନାହିଁ, ସେତେ ବେଳେ ସେ ଉପାୟଟିଏ ଚିନ୍ତାକଲେ । ମୋଗଲ ସମ୍ରାଟ ହୁମାୟୁନଙ୍କ ନିକଟକୁ ଏକ ରାକ୍ଷୀ ପଠେଇ ଦେଲେ । ହୁମାୟୁନ ମଧ୍ୟ ଏହାକୁ ଭଉଣୀର ସ୍ନେହ ମନେ କରି ଚିତୋରର ସୁରକ୍ଷା ପାଇଁ ତୁରନ୍ତ ତାଙ୍କର ସୈନ୍ୟବାହିନୀ ପଠେଇ ଦେଇଥିଲେ ।
ରକ୍ଷାବନ୍ଧନ ବା ରାକ୍ଷୀ ପୂର୍ଣ୍ଣିମା କାହିଁ କେତେ କାଳରୁ ଚାଲି ଆସିଛି । ଭାଇ ଭଉଣୀ ମଧ୍ୟରେ ରହିଥିବା ପ୍ରେମ, ବନ୍ଧୁତ୍ୱ, ବୁଝାମଣା ସବୁ ଏହି ଦିନ ଆହୁରି ବଳିଷ୍ଠ ହୋଇଥାଏ ।