oom

ବଲାଙ୍ଗିରରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥର ଶୁଭାରମ୍ଭ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ରାଜ୍ୟରେ ଶିଶୁ ଶ୍ରମିକ ନିରାକରଣ ସମ୍ପର୍କିତ ଏକ ମାସ ବ୍ୟାପୀ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହା ଜୁନ ମାସ ୧ ତାରିଖଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ ଆଜି ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଆୟୋଜିତ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ଜିଲ୍ଲାପାଳ ଚଞ୍ଚଳ ରାଣା ଏବଂ ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିକ୍ରମା କରି ଶିଶୁ ଶ୍ରମିକ ନିରାକରଣ, ଶିଶୁ ଶ୍ରମିକ ଆଇନରେ ଥିବା ପ୍ରାବଧାନ, କଟକଣା ଇତ୍ୟାଦି ସମ୍ପର୍କରେ ସଚେତନତା ରଥ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଯିବ । ଏତଦ ବ୍ୟତୀତ ଶିଶୁ ଶ୍ରମିକ ନିରାକରଣ ସମ୍ପର୍କରେ ସଚେତନତା ରାଲିର ଆୟୋଜନ କରାଯାଇ ଜନସାଧାରଣଙ୍କୁ ସଚେତନ କରାଯିବ । ଏହି ସଚେତନତା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ଅଧିକାରୀ ସୁକାନ୍ତ କୁମାର ସେଠୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ, ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ସହକାରୀ ଜିଲ୍ଲା ଶ୍ରମ ଅଧିକାରୀ ପାନାମଣି ସୋରେନ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂଙ୍କ ସମେତ ଜିଲ୍ଲା ଶ୍ରମ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଶ୍ରମ ଆଇନ ୧୯୮୬ ଅନୁସାରେ ୧୪ ବର୍ଷ ପୂର୍ଣ୍ଣ କରିନଥିବା ଶିଶୁଙ୍କୁ କୌଣସି ପ୍ରକାରର ବୃତ୍ତି ଏବଂ ପ୍ରକ୍ରିୟାରେ ତଥା ୧୫ ବର୍ଷରୁ ୧୮ ବର୍ଷ ବୟସର କିଶୋରମାନଙ୍କୁ ବିପଦ ସଙ୍କୁଳ ବୃତ୍ତି ଏବଂ ପ୍ରକ୍ରିୟାରେ ନିୟୋଜନ କରିବା ଏକ ଧର୍ତ୍ତବ୍ୟ ଅପରାଧ ଅଟେ । ଯଦି କୌଣସି ବ୍ୟକ୍ତି ୧୪ ବର୍ଷରୁ କମ୍‌ ବୟସର ଶିଶୁଙ୍କୁ କାମରେ ନିୟୋଜିତ କରିଛନ୍ତି କିମ୍ବା ୧୫ ବର୍ଷରୁ ୧୮ ବର୍ଷ ବୟସ ମଧ୍ୟରେ ଥିବା କିଶୋରମାନଙ୍କୁ ବିପଦ ସଙ୍କୁଳ ବୃତ୍ତି ଏବଂ ପ୍ରକ୍ରିୟାରେ ନିୟୋଜିତ କରିବାର ନଜରକୁ ଆସେ ତେବେ ତୁରନ୍ତ ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଅବଗତ କରିପାରିବେ । ଏତଦ ବ୍ୟତୀତ ନିଶୁଳ୍କ ଶ୍ରମିକ ସହାୟତା ହେଲ୍ପ ଲାଇନ ନମ୍ବର ୧୫୫୩୬୮ ଏବଂ ଚାଇଲ୍ଡ ଲାଇନ ନମ୍ବର ୧୦୯୮କୁ ଯୋଗାଯୋଗ କରିବାକୁ ଜିଲ୍ଲା ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ଆସନ୍ତା ୭ ତାରିଖ ସକାଳ ୮ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶିଶୁ ଶ୍ରମିକ ନିରାକରଣ ସମ୍ପର୍କିତ ଏକ ସଚେତନତା ରାଲିର ଆୟୋଜନ କରାଯିବ ।

jittmm
Leave A Reply

Your email address will not be published.