ଜଗତର ନାଥ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା

ଆଜି ହେଉଛି ପବିତ୍ର ରଥଯାତ୍ରା । ରଥଯାତ୍ରା ଅନେକ ନାମରେ ଜଣାଶୁଣା ଯଥା : ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା । ରଥଯାତ୍ରା ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱ ପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି ।

ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭. ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ । ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜେ । ଏହାକୁ ଗୁଣ୍ଡିଚା ପଞ୍ଚକ କୁହଯାଏ ।

ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରଦାନ କରିଛନ୍ତି । ଋଗ୍‌ବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ଦେଖାଯାଏ । ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ । ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ । ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା । ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହୋଇଛି ସେଥି ମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ । କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି । କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ ଚୀନ ପରିବ୍ରାଜକ ଫାହିୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜି ସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି ।

କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ୱାରକାଧିପତି ଶ୍ରୀକୃଷ୍ଣ । ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା । ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ ତାହାକୁ ମହୋଦଧିରେ ବିସର୍ଜନ କରିଦିଅ ପାଣ୍ଡବମାନେ ତାହାହିଁ କଲେ ।

ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା । ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ । ସ୍ୱୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ । ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏଁ ଦ୍ୱାର ଖୋଲାଯିବ ନାହିଁ । ମାତ୍ର ପନ୍ଦର ଦିନ ପରେ ଦ୍ୱାର ଖୋଲାଗଲା ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ । କେବଳ ଅଧାଗଢା ମୂର୍ତ୍ତି ରହିଗଲା ଅଧାଗଢ଼ା ମୂର୍ତ୍ତିକୁ ଶ୍ରୀମନ୍ଦିରରେ ପ୍ରତିଷ୍ଠା କରାଗଲା । ସେହି ସମୟରେ ମହାପ୍ରଭୁ କହିଥିଲେ : ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ । ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି ।

ଆସନ୍ତୁ ଜାଣିବା ତିନି ରଥ ବିଷୟରେ :

ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରତିବର୍ଷ ତିନିଗୋଟି ରଥ ସମ୍ପୂର୍ଣ୍ଣ ଶିଳ୍ପ ଶାସ୍ତ୍ରୀୟ ପଦ୍ଧତିରେ ନିର୍ମାଣ କରାଯାଉଥିଲେ ହେଁ ପ୍ରତି ରଥରେ ଅଧିଷ୍ଠିତ ହେଉଥିବା ପାର୍ଶ୍ୱ ଦେବତାଙ୍କର ନିର୍ମାଣ ହୋଇନଥାଏ । କେବଳ ନବକଳେବର ବର୍ଷମାନଙ୍କରେ ରୂପକାର ସେବକମାନେ ନିମ୍ବ କାଠରେ ମୋଟ ୨୭ ଗୋଟି ପାର୍ଶ୍ୱ ଦେବଦେବୀଙ୍କର ବିଗ୍ରହ ନିର୍ମାଣ କରିଥାନ୍ତି । ପ୍ରତିବର୍ଷ ରଥଯାତ୍ରାର ଅଳ୍ପ ଦିନ ପୂର୍ବରୁ ଚିତ୍ରକାର ସେବକମାନେ ଏହି ମୂର୍ତ୍ତିଗୁଡିକୁ ରଙ୍ଗ କରିଥାନ୍ତି । ଆବଶ୍ୟକ ପଡିଲେ ରୂପକାର ସେବକମାନଙ୍କଦ୍ୱାରା ଏହାର ମରାମତି କାର୍ଯ୍ୟ ହୋଇଥାଏ । ରଥଯାତ୍ରାର ଦୁଇ ଦିନ ପୂର୍ବରୁ ପ୍ରତି ରଥରେ ନଅ ମୂର୍ତ୍ତି ଲେଖାଏଁ ପାର୍ଶ୍ୱଦେବତାଙ୍କୁ ଅଧିଷ୍ଠିତ କରାଯାଇଥାଏ ।

ନନ୍ଦିଘୋଷ:
ନନ୍ଦିଘୋଷ ରଥରେ ଜଗତର ନାଥ ଜଗନ୍ନାଥ ବିଜେ କରିଥାନ୍ତି । ନନ୍ଦିଘୋଷ ରଥ ମୋଟ ୭୪୨ଖଣ୍ଡ କାଠରେ ତିଆରି ହୋଇଥାଏ । ଏହି ରଥର ଉଚ୍ଚତା ୪୫ଫୁଟ ୬ ଇଞ୍ଚ ଅଟେ । ଏହି ରଥରେ ୧୬ଟି ଚକ (ବିଷ୍ଣୁସିଦ୍ଧ, ବିଭୂତି, ଅଣିମା, ପ୍ରଜ୍ଞା, ଧୀ, ଜ୍ଞାନ, ପ୍ରେମ, ଆଶକ୍ତ, ରତି, କେଳି, ସତ୍ୟ, ସୁଷ୍ୱସ୍ତି, ଜାଗୃତି, ତୁରୀୟ, ଆମ, ନିର୍ବାଣ) ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ।
ସାରଥି : ଦାରୁକ ।
ରଥର ଦଉଡ଼ି: ଶଙ୍ଖଚୂଡ଼ ।
ପରମ୍ପରା ମୁତାବକ ଧଳାରଙ୍ଗର ଚାରୋଟି ଘୋଡ଼ା (ଶଙ୍ଖ, ବଳାହକ, ଶ୍ୱେତ ଓ ହରିଦ୍ୱାଶ) ସ୍ଥାପନ କରାଯାଏ । ଏହାର ପତାକା ଗରୁଡ଼ ଚିହ୍ନାଙ୍କିତ । ଧ୍ୱଜପମୂର୍ତ୍ତି: ପଞ୍ଚମୁଖୀ ହନୁମାନ । ନାଲି ଓ ହଳଦିଆ ରଙ୍ଗର କପଡ଼ାରେ ରଥାବରଣ କରାଯାଏ । ନନ୍ଦିଘୋଷରେ ହରିହର, ପଣ୍ଡୁ ନୃସିଂହ, ଗିରିଧର, ଷଡ଼ଭୁଜ ଚିନ୍ତାମଣି କୃଷ୍ଣ, ଚତୁର୍ଭୁଜ ନାରାୟଣ, ସପ୍ତଫେଣ ସର୍ପରେ ଆସୀନ ମଧୁସୂଦନ ବା ବିଷ୍ଣୁ, ଲକ୍ଷ୍ମଣ, ପଞ୍ଚମୁଖୀ ମହାବୀର ପାର୍ଶ୍ୱଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

ତାଳଧ୍ୱଜ :
‘ତାଳଧ୍ୱଜ’ ବା ‘ଲଙ୍ଗଳ ଧ୍ୱଜ’ ରଥରେ ବଳଭଦ୍ରଙ୍କ ସହ ରାମକୃଷ୍ଣ ବିଜେ କରନ୍ତି । ମୋଟ ୭୩୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ଅଟେ । ଏହି ରଥରେ ୧୪ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୬ ଇଞ୍ଚ । ଦଧିନଉତି : ହିରଣ୍ମୟୀ
ସାରଥି: ମାତଳୀ । ରଥର ଦଉଡ଼ି: ବାସୁକୀ । ପରମ୍ପରା ମୁତାବକ କଳା ରଙ୍ଗର ଚାରୋଟି ଘୋଡ଼ା ଘୋଡ଼ା (ତୀବ୍ର, ଘୋର, ଦୀର୍ଘଶ୍ରମ ଏବଂ ସ୍ବର୍ଣ୍ଣନାଭ) ବା (ସ୍ଥିରା, ଧୃତି, ସ୍ଥିତି ଏବଂ ପ୍ରଜ୍ଞା) ବା (ଶଙ୍ଖ,ସୁଚ଼ିତ୍ର, ଅଙ୍ଗଦ ଏବଂ ମେଘନାଦ) ସ୍ଥାପନ କରାଯାଏ ।
ଧ୍ୱଜପମୂର୍ତ୍ତି: ଲକ୍ଷ୍ମୀନୃସିଂହ । ନାଲି ଓ ସବୁଜ ରଙ୍ଗର କପଡ଼ାରେ ରଥାବରଣ କରାଯାଏ । ତାଳଧ୍ୱଜ ରଥରେ ମହାଦେବ, ବାଇଶିଭୁଜ ନୃସିଂହ, ବଳରାମ, ନୃତ୍ୟ ଗଣପତି, ଲକ୍ଷ୍ମଣଙ୍କୁ ବହନ କରିଥିବା ଅଙ୍ଗଦ, ନାଟାମ୍ବର (ବୃଷଭ ଉପରେ ନୃତ୍ୟରତ ଶିବ), କାର୍ତ୍ତିକେଶ୍ୱର, ମଧୁକୈଟବଙ୍କ ସହ ବିଷ୍ଣୁଙ୍କ ଯୁଦ୍ଧ, ଅନନ୍ତବାସୁଦେବ ପାର୍ଶ୍ୱବଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

ଦର୍ପଦଳନ
‘ଦର୍ପଦଳନ’ ବା ‘ପଦ୍ମଧ୍ୱଜ’ ବା ‘ଦେବଦଳନ’ ରଥରେ ସୁଭଦ୍ରାଙ୍କ ସହ ଶ୍ରୀସୁଦର୍ଶନ ବିଜେ କରନ୍ତି । ମୋଟ ୭୧୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୪ଫୁଟ ୬ ଇଞ୍ଚ ଅଟେ । ଏହି ରଥରେ ୧୨ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୮ ଇଞ୍ଚ ।
ସାରଥି: ଅର୍ଜୁନ ।
ରଥର ଦଉଡ଼ି: ସ୍ୱର୍ଣ୍ଣ୍ଣଚୂଡ଼ ।
ଧ୍ୱଜପମୂର୍ତ୍ତି: ଜୟଦୁର୍ଗା ।
ପରମ୍ପରା ମୁତାବକ ନାଲି ଚାରୋଟି ଘୋଡ଼ା (ରୋଚିକା, ମୋଚିକା, ଜିତା, ଅପରାଜିତା) ସ୍ଥାପନ କରାଯାଏ । ନାଲି ଓ କଳା ରଙ୍ଗର କପଡ଼ାରେ ରଥାବରଣ କରାଯାଏ । ଦର୍ପଦଳନରେ ବିମଳା, ମଙ୍ଗଳା, ବାରାହୀ, ଭଦ୍ରକାଳୀ(ଶବରୂଢ଼ା ଚତୁର୍ଭୁଜା), ବନଦୁର୍ଗା ବା କଣ୍ଟକାଢ଼ି, କାତ୍ୟାୟନୀ (ଅଷ୍ଟଭୁଜା ଦୁର୍ଗା), ହରଚଣ୍ଡୀ, ରାମଚଣ୍ଡୀ (ଅଷ୍ଟଭୁଜା ଓ ବାମହାତ କାଣି ଆଙ୍ଗୁଠିକୁ ପାଟିରେ ଚୁଚୁମିଛନ୍ତି), ଅଘୋରା ପାର୍ଶ୍ୱଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

ଶ୍ରୀଜଗନ୍ନାଥଙ୍କ ରଥର ୧୬ ଚକ ଷୋଳକଳାର, ବଳଭଦ୍ରଙ୍କର ୧୪ ଚକ ଚତୁର୍ଦ୍ଦଶ ମନ୍ୱନ୍ତରର ଓ ସୁଭଦ୍ରାଙ୍କ ୧୨ ଚକ ବାରମାସର ଦୃଷ୍ଟି ଆକର୍ଷଣ କରିଥାଏ । ତିନି ରଥର ଦଧିନଉତି : ହିରଣ୍ୟଗର୍ଭ, ହିରଣ୍ମୟୀ, ଭୁବନକୋଷ । ଏହି ତିନି ଦଧିନଉତି ଉପରେ ମୋଟ ୯ଟି ପିତଳ କଳସ (ନଭ, ଆକାଶ, ବ୍ୟୋମ, ପରା, ଅପରା, ବୈଖାରୀ, ଚନ୍ଦ୍ର, ସୂର୍ୟ୍ୟ, ବିଦ୍ୟୁତ) ସ୍ଥାପନ କରାଯାଏ ।

ଶ୍ରୀଗୁଣ୍ଡିଚା :

ଶ୍ରୀଗୁଣ୍ଡିଚାର ଠିକ୍‌ ପୂର୍ବ ଦିନ ଶ୍ରୀମନ୍ଦିର ସଦର କାର୍ଯ୍ୟାଳୟ ସମ୍ମୁଖସ୍ଥ ରଥଖଳାଠାରେ ଥିବା ତିନିରଥ ସୁସଜ୍ଜିତ ପୂର୍ବକ ଶ୍ରୀବିଗ୍ରହମାନଙ୍କ ଆଜ୍ଞାମାଳ ଆସି ଲାଗି ହେବା ପରେ ରଥଗୁଡିକ ଅପରାହ୍ନରେ ଟଣା ହୋଇ ସିଂହଦ୍ୱାରଠାରେ ରଖାଯାଇଥାଏ । ଉଲ୍ଲେଖଯୋଗ୍ୟ ଯେ, ରଥଖଳାର ପରମ୍ପରା ଅନୁଯାୟୀ ପ୍ରଥମେ ଜଗନ୍ନାଥ, ସୁଭଦ୍ରା ଓ ଶେଷରେ ବଳଭଦ୍ରଙ୍କ ରଥ ଟଣା ହୋଇଥାଏ ।

ନେତ୍ରୋତ୍ସବ ଦିନ ବିଳମ୍ବିତ ରାତ୍ରରେ ଅଣସର ପିଣ୍ଡିରେ ବିରାଜମାନ କରିଥିବା ଶ୍ରୀବିଗ୍ରହମାନଙ୍କ କେତେକ ଗୁପ୍ତ ନୀତି ଯଥା ବାହୁଟକଣ୍ଟ, ସେନାପଟା, ଶୁକ୍ଳ ସଜ ଲାଗି ଇତ୍ୟାଦି କାର୍ଯ୍ୟ ଶେଷ ହୋଇଥାଏ । ଶ୍ରୀଗୁଣ୍ଡିଚା ଦିନ ପ୍ରତ୍ୟୁଷରୁ ଠାକୁରମାନଙ୍କର ମଙ୍ଗଳ ଆଳତି, ମଇଲମ, ଅବକାଶ, ରୋଷ ହୋମ, ସୂର୍ଯ୍ୟ ପୂଜା, ଦ୍ୱାରପାଲ ପୂଜା, ବେଶ ଇତ୍ୟାଦି ନୀତି ଉକ୍ତ ଦିନର ପାଳିଆ ସେବକମାନଙ୍କଦ୍ୱାରା ସମାପିତ ହୋଇଥାଏ । ଏହାପରେ ଏକାଠି ଗୋପାଳବଲ୍ଲଭ ଓ ସକାଳ ଧୂପ ( ଖେଚେଡି ଭୋଗ) ପୂଜା ଅନୁଷ୍ଠିତ ହୋଇଥାଏ । ଅପରପକ୍ଷରେ ଶ୍ରୀମନ୍ଦିର ପୁରୋହିତ ଓ ଅନ୍ୟାନ୍ୟ ଶୋତ୍ରୀୟ ବ୍ରାହ୍ମଣମାନଙ୍କଦ୍ୱାରା ରଥ ପ୍ରତିଷ୍ଠା କାର୍ଯ୍ୟ ହୋଇଥାଏ । ତତ୍ପରେ ଠାକୁରମାନଙ୍କ ମନମୁଗ୍ଧକର ପହଣ୍ଡି ନୀତି ଅନୁଷ୍ଠିତ ହେବା ପୂର୍ବରୁ ବିଜେ କାହାଳି ବାଜି ମଙ୍ଗଳାପର୍ଣ ନୀତି ବଢ଼ିଥାଏ ।

ପହଣ୍ଡି ସମୟରେ ପ୍ରଥମେ ଶ୍ରୀସୁଦର୍ଶନ, ଶ୍ରୀବଳଭଦ୍ର, ଶ୍ରୀସୁଭଦ୍ରା ଓ ଶ୍ରୀଜଗନ୍ନାଥ ଧାଡି ପହଣ୍ଡିରେ ବିଜେ ହୋଇଥାନ୍ତି । ଜଗମୋହନଠାରେ ଘଣ୍ଟ, ପକାଉଜ ଇତ୍ୟାଦି ବାଦ୍ୟ ବାଜିଥାଏ । ବିଭିନ୍ନ ମଠର ମଠାଧୀଶ, ବ୍ୟକ୍ତି ବିଶେଷମାନେ ଚାମର, ଆଲଟ ସେବା କରିବା ସହିତ କେତେକ ନିର୍ଦ୍ଦିଷ୍ଟ ସ୍ଥାନରେ ପନ୍ତି ଭୋଗ ହୋଇଥାଏ । ପହଣ୍ଡି ଦେଖିବା ନିମନ୍ତେ ମନ୍ଦିର ପ୍ରଶାସନ ପକ୍ଷରୁ ପହଣ୍ଡି ଦର୍ଶନ ଟିକେଟ ବିକ୍ରୟ କରାଯାଇ ଦର୍ଶନାର୍ଥୀମାନଙ୍କୁ ମନ୍ଦିର ପରିସରକୁ ଆସିବା ନିମନ୍ତେ ଅନୁମତି ପ୍ରଦାନ କରାଯାଇଥାଏ । ଠାକୁରମାନେ ଜଗମୋହନର ସାତ ପାହଚ ଉପରେ ପହଞ୍ଚିବା କ୍ଷଣି ରାଘବ ଦାସ ମଠ ପ୍ରଦତ୍ତ ଟାହିୟା’ ଶ୍ରୀମସ୍ତକରେ ଲଗାଯାଇଥାଏ । ପହଣ୍ଡି ସମୟରେ ବେହେରା ଖୁଣ୍ଟିଆ ମଣିମା ଡାକ ଦେଇଥାନ୍ତି । ସମଗ୍ର ବଡ଼ ଦେଉଳ ଓ ସିଂହଦ୍ୱାର ଅଞ୍ଚଳ ହୁଳହୁଳି, ହରିବୋଲ, ଜୟ ଜଗନ୍ନାଥ ଓ ଦେବ ଧ୍ୱନି ଶବ୍ଦରେ ପ୍ରକମ୍ପିତ ହୋଇଥାଏ । ଶ୍ରୀବିଗ୍ରହମାନେ ରଥାରୁଢ଼ ହେବାପରେ ପୁଷ୍ପାଳକ ମହାଜନମାନେ ଶ୍ରୀମଦନମୋହନଙ୍କୁ ନନ୍ଦିଘୋଷ ରଥରେ ଏବଂ ରାମ, କୃଷ୍ଣ ବିଗ୍ରହଙ୍କୁ ତାଳଧ୍ୱଜ ରଥ ଉପରେ ଅଧିଷ୍ଠିତ କରାଇଥାନ୍ତି । ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରର ଘସା (ତେଲିଙ୍ଗି) ଓ କାହାଳି ବାଦ୍ୟ ସହ ବଣିଆ ସେବକମାନଙ୍କଠାରୁ ସୋଲ ଚିତା ତିନୋଟି ଅଣାଯାଇ ସିଂହଦ୍ୱାର ସଂଲଗ୍ନ ଛାଉଣୀ ମଠରେ ରଖାଯାଇଥାଏ । ରଥ ଉପରେ ରୁନ୍ଧା, ଫୁଲମାଳ, ବେଶ, ଶୋଲ ଚିତା ଲାଗି ଇତ୍ୟାଦି ନୀତି ବଢ଼ିବା ସଙ୍ଗେ ସଙ୍ଗେ ଗୋବର୍ଦ୍ଧନ ପୀଠର ଜଗଦଗୁରୁ ଶଙ୍କରାଚାର୍ଯ୍ୟ ତିନି ରଥ ଉପରେ ଶ୍ରୀବିଗ୍ରହମାନଙ୍କୁ ଦର୍ଶନ କରିଥାନ୍ତି । ଏହା ପରେ ପାରମ୍ପାରିକ ନୀତିରେ ଗଜପତି ମହାରାଜାଙ୍କ ଦ୍ୱାରା ଛେରାପହଁରା ନୀତି ସମାହିତ ହୋଇଥାଏ । ଏଥି ପୂର୍ବରୁ ଶ୍ରୀବିଗ୍ରହମାନଙ୍କ ନୀତି ପାଇଁ ଆବଶ୍ୟକ ଥିବା ଦୈନନ୍ଦିନ ସାଜ ବସ୍ତ୍ର ଓ ଅନ୍ୟାନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଥିବା ସିନ୍ଦୁକକୁ କୋଠ ସୁଆଁସିଆ ସେବକମାନେ ରଥ ଉପରେ ଆଣି ରଖିଥାନ୍ତି । ଛେରା ପହଁରା ନୀତି ଶେଷ ହେବା ପରେ ରଥରେ ସାରଥୀଙ୍କୁ ଅଧିଷ୍ଠିତ କରାଯାଏ । ରଥରୁ ଚାରମାଳ ଖୋଲାଯିବା ପରେ ଘୋଡ଼ା ବନ୍ଧାଯାଏ । ଏହି କାର୍ଯ୍ୟକ୍ରମ ସରିବା ପରେ ରଥରେ ଦଉଡି ଲଗାଯାଇ ରଥଟଣା ହୋଇଥାଏ ।

ତାପରେ ତିନି ପ୍ରଭୁ ରଥରେ ବିଜେ କରି ନିଜ ମାଉସୀ ଘରକୁ ଯାଇଥାନ୍ତି । ସେଠାରେ ଦଶ ଦିନ ରହି ଦଶମୀରେ ପୁଣି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି ।

Leave A Reply

Your email address will not be published.