om academy

ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା

jsm
  • ଉପଯୁକ୍ତ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ପୁରୀ ପୌରପାଳିକା ଲିଜ୍‌ ଜମିଗୁଡିକ ହେବ ନିୟମିତ
  • ବର୍ଷ ବର୍ଷର ସମସ୍ୟାର ହେବ ସମାଧାନ
  • ୨୦ ଦିନ ମଧ୍ୟରେ ସର୍ଭେ କାମ ସାରିବାକୁ ୫-ଟି ସଚିବଙ୍କ ନିର୍ଦ୍ଦେଶ
  • ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାମ ପାଇଁ ଟେଣ୍ଡର ସେପ୍ଟେମ୍ବର ଶେଷ ସୁଦ୍ଧା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା । ଏ ସଂପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ ୫-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍ ନିୟମିତ କରିବା ପାଇଁ ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ନୟାଗଡ ଜିଲ୍ଲାର ମଂଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା । ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.