pakka

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା

bbehera
  • ଆସନ୍ତା ୧୦ ଦିନ ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁ ବ୍ୟବସ୍ଥା ହୋଇଥିଲା, ସେହି ପରିମାଣର ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ
  • ଜନସାଧାରଣଙ୍କ ଜୀବିକା ଉପରେ ପ୍ରଭାବ ନ ପକାଇ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
  • ସତର୍କ ରହିବା ସହିତ କୋଭିଡ ନିୟମର ଦୃଢ ଅନୁପାଳନ ପାଇଁ ଜନସାଧାରଣଙ୍କୁ ପୁଣି ନିବେଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣଙ୍କ ଟୀକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟୀକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ୍‌ ମାତ୍ରାରେ କଟକଣା ଜାରି କରିବାକୁ ପଡିବ । ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାରା ଦେଶରେ ଓମିକ୍ରନ୍‌ ଭାରିଆଣ୍ଟ ଦୃତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ । ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି । ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ । ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ହୋଇଥିଲା ବୋଲି ପ୍ରକାଶ କରି ଏଗୁଡିକର କାର୍ଯ୍ୟାନ୍ବୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଗତ ଲହରୀ ସମୟରେ ଅକ୍‌ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ବ ଦିଆଯାଇଥିଲା । ବର୍ତ୍ତମାନ ପୁଣି ଅଧିକାରୀମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବ୍‌ଜରଭର ବ୍ୟବସ୍ଥାକୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଯେହେତୁ ଏହି ଲହରୀରେ ସଂକ୍ରମଣ ଦୃତ ଗତିରେ ବ୍ୟାପିବାର ସମ୍ଭାବନା ରହିଛି, ତେଣୁ ସବୁ ବ୍ୟବସ୍ଥା ତୁରନ୍ତ କାର୍ୟ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମକୁ ପାଳନ କରିବା ଏବଂ ଦାୟିତ୍ବରେ ଥିବ ଅଧିକାରୀ ମାନଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯିବ । ବରିଷ୍ଠ ଅଧିକାରୀମାନେ ଜିଲ୍ଲାକୁ ଗସ୍ତ କରି ଜିଲ୍ଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ବୋଲି ସେ କହିଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ଓଡିଶାରେ ଓମିକ୍ରନର ସଂକ୍ରମଣ ସଂପର୍କରେ ସତର୍କ ଦୃଷ୍ଟି ରଖାଯାଇଛି ଏବଂ ବିଦେଶାଗତ ଲୋକମାନଙ୍କର ନିୟମିତ ପରୀକ୍ଷା କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ଚିକିତ୍ସା ପ୍ରୋଟୋକଲ ପ୍ରସ୍ତୁତ କରାଯିବ ବୋଲି ସେ ସୂଚନା ଦେଇଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡିକରେ ଆବଶ୍ୟକ ପରିମାଣର ଔଷଧ, ଶଯ୍ୟା ଓ ଅକ୍‌ସିଜେନ ମହଜୁଦ ରହିଛି ବୋଲି ସେ କହିଥିଲେ । ପୋଲିସ ଡିଜି ସୁନିଲ ବଂଶଲ ରାଜ୍ୟରେ ଲୋକଙ୍କ ସହଯୋଗରେ କଟକଣା ଗୁଡିକର ଅନୁପାଳନ କରାଯାଉଛି ଓ ଆଗାମୀ ଦିନରେ ଏହାକୁ ଆହୁରି ଜୋରଦାର କରାଯିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କୋଭିଡ କଟକଣା ପାଳନ ସମୟରେ ଘର ଭିତର ଓ ବାହାରରେ ଲୋକଙ୍କ ଭିଡ ଉପରେ ନଜର ରଖିବା ପାଇଁ ମତ ଦେଇଥିଲେ । ଯେଉଁ ପଦକ୍ଷପ ଦ୍ବାରା କୋଭିଡ ସଂକ୍ରମଣର ନିୟନ୍ତ୍ରଣ ହୋଇପାରିବ, ତା’ ଉପରେ ଧ୍ୟାନ ଦେବାକୁ ସେ କହିଥିଲେ । ବୈଠକରେ ସୁନ୍ଦରଗଡ, ବଲାଙ୍ଗିର, ଗଞ୍ଜାମ ଓ ବାଲେଶ୍ବର ଜିଲ୍ଲାର ଜିଲ୍ଲାପାଳ ତଥା ବିଏମସି ଓ ସିଏମସିର କମିଶନରମାନେ ସେମାନଙ୍କ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷପ ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ । ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଯୋଗ ଦେଇଥିଲେ ।

Leave A Reply

Your email address will not be published.

1 × 4 =