ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

  • ୫-ଟି ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ
  • ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌, ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ
  • ଦେବଗଡର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌, ୩ ଲକ୍ଷ ଲୋକ ଉପକୃତ
  • ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌, ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ
  • ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ ୫୫ଟି ବସ୍‌, ୧୩ ଲକ୍ଷ ଲୋକ ଉପକୃତ
  • ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି, ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ : ମୁଖ୍ୟମନ୍ତ୍ରୀ
  • ଲକ୍ଷ୍ମୀ ବସ୍‌ ଆପଣମାନଙ୍କ ନିଜସମ୍ପତ୍ତି, ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ ଆପଣମାନଙ୍କର,
    ଲୋକଙ୍କ ସୁରକ୍ଷା ଓ ସମ୍ମାନପ୍ରତି ଗୁରୁତ୍ୱ ଦିଅନ୍ତୁ : ଲୋକଙ୍କୁ, କର୍ମଚାରୀଙ୍କୁ ୫-ଟି ଅଧ୍ୟକ୍ଷଙ୍କ ଅନୁରୋଧ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ । ଆଜି ଏହି ବ୍ୟବସ୍ଥାରେ ଆଉ ୩ଟି ଜିଲ୍ଲା ଯୋଡି ହେଲା । ଶୁଭାରମ୍ଭ ପରେ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌ ଚାଲିବ । ଏହା ଦ୍ୱାରା ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ । ଦେବଗଡର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌ ଚାଲିବ ଏବଂ ୩ ଲକ୍ଷ ଲୋକ ଉପକୃତ ହେବେ । ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌ ଚାଲିବ ଏବଂ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ । ସେହିପରି ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ ୫୫ଟି ବସ୍‌ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ । ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି । ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫-ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି । ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ । ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ । ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି । ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି । ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ । ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ସେ କହିଥିଲେ ଯେ ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ । ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକ ସହିତ ଯୋଡିବ । ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ । ପିଲାଙ୍କୁ ସ୍କୁଲ କଲେଜ ନେବ । ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ । ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ଦେବଗଡଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଓ ଢେଙ୍କାନାଳରେ ଉପସ୍ଥିତ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ କୁମାର ମଲ୍ଲିକ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି । ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳର ଜନଜୀବନକୁ ସୁଗମ କରିଛି । ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବଢିଛି ବୋଲି ସେମାନେ ମତ ଦେଇଥିଲେ । କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କହିଲେ ଯେ ଲକ୍ଷ୍ମୀ ବସ୍‌ ହେଉଛି ଲୋକଙ୍କ ସମ୍ପତ୍ତି । ଆପଣଙ୍କ ସମ୍ପତ୍ତି । ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ । ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ବସ୍‌ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଢେଙ୍କାନାଳରେ ବିଧାୟକ ସୁଧିର କୁମାର ସାମଲ, ଅନୁଗୋଳରେ ବିଧାୟକ ରଜନିକାନ୍ତ ସିଂ, ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ ଦେବଗଡରେ ଜିଲ୍ଲା ପରିଷଦ ସଭାପତି କୌଶିକ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ସେମାନଙ୍କର ଅଭିଭାଷଣ ଦେଇଥିଲେ । କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ । ସମସ୍ତ ଜିଲ୍ଲାରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା ।

Leave A Reply

Your email address will not be published.

one × 1 =