ବଲାଙ୍ଗିର ଜିଲ୍ଲାରେ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ୧୦ ଗୋଟି ବ୍ଲକ ଓ ୪ ଗୋଟି ସହରାଞ୍ଚଳରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ନିଜେ ଡି.ଇ.ସି ବଟିକା ଓ କୃମିନାଶକ ବଟିକା ଖାଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ମଧ୍ୟ ଡି.ଇ.ସି ବଟିକା ଓ କୃମିନାଶକ ବଟିକା ଖାଇଥିଲେ । କାର୍ଯ୍ୟକ୍ରମରେ ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟର ଡ଼. ନିର୍ମଲା ଦେଇ ପର୍ଯ୍ୟବେକ୍ଷକ ଭାବେ ଯୋଗ ଦେଇଥିବା ବେଳେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼. କୁବେର ଚନ୍ଦ୍ର ମହନ୍ତ, ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼. ସିଦ୍ଧେଶ୍ଵର ମାଝୀ, ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର ମୃତ୍ୟୁଞ୍ଜୟ ମୁଣ୍ଡଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ । ଆଜି ଜିଲ୍ଲା କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀମାନେ ଡି.ଇ.ସି ବଟିକା ଓ କୃମିନାଶକ ବଟିକା ଖାଇଛନ୍ତି । ଜିଲ୍ଲାର ୧୩ ଲକ୍ଷ ୧୯ ହଜାର ୭୫ ଜନସଂଖ୍ୟାକୁ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ଡି.ଇ.ସି ବଟିକା ଓ କୃମିନାଶକ ବଟିକା ଖୁଆଇବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ ପରିବାରର ସଦସ୍ୟ ସଦସ୍ୟାମାନଙ୍କୁ ବୟସ ଅନୁସାରେ ଏହି ବଟିକା ଖୁଆଇବେ । ତେଣୁ ଜନସାଧାରଣ ଏହି ଅଭିଯାନରେ ସହଯୋଗ କରିବା ସହ ଏହି ବଟିକା ନିଶ୍ଚୟ ଖାଇବାକୁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।

Leave A Reply

Your email address will not be published.