ମାଲକାନଗିରିରେ ୬ଟି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ । ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ୱତନ୍ତ୍ର ହୋଇ ରହିଛି । ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ । ମୋର ପୂର୍ଣ୍ଣ ବିଶ୍ୱାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ୱଳ ହେବ । ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ।’ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି – ଅନ୍ୱେଷା କାର୍ଯ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ । ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବପାଇଁ ବ୍ୟବସ୍ଥା କରାଯାଇଛି । ମୋଟୁ ଟ୍ରାଇ ଜଙ୍କସନ୍ଠାରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍ ଟର୍ମିନାଲ । ଏହା ଜିଲ୍ଲା ସହିତ ଛତିଶଗଡ ଓ ଆନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି । ଏହାସହିତ ମାଲକାନଗିରି ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳା ଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ୱଧାର ଗୃହ । ଏହି ଅବସରରେ ଚିତ୍ରକୁଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ରକ୍ରମ ପରିଚାଳନା କରିଥିଲେ । ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

3 + four =