pakka

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

bbehera

ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥି ଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ସରିବା ପରେ ୩ ବାଡରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ । ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରାଇଥାନ୍ତି । ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ ଘଟୁଆରୀ ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥାନ୍ତି, ତତ୍ପରେ ବେଶ ଓ ଅଳଙ୍କାରରେ ବିମଣ୍ଡିତ ହୋଇ କର୍ପୂର ଲାଗି ପରେ ପୁଷ୍ପାଳକମାନେ ସିଂହାସନରୁ ଓହ୍ଲାଇ ଆସିଥାନ୍ତି । ତତ୍ପରେ ସୁଦୁସୁଆର ଠା କରିବା ପରେ ତିନିବାଡ଼ରେ ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ ବରୁଣ ପୂଜା କରିଥାନ୍ତି । ଏହି ପୂଜା ସମାପନାନ୍ତେ ଭିତରେ ପାଣି ପଡି ମଧ୍ୟାହ୍ନ ଧୂପ ଉଠିସାରିବା ପରେ ତିନି ବାଡରେ ମଙ୍ଗଳାର୍ପଣ ନୀତି ହେବା ସହ ଫୁଲୁପୁରିଆ ଖଦି ଓ ଛେଦା ପ୍ରସାଦ ଲାଗିହୋଇ ବନ୍ଦାପନା ହୋଇଥାଏ । ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘ ଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘ ଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି । ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ର ଅପଭ୍ରଂଶ । ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁ ଘରୁ ଆସିଥାଏ । ଏହିଦିନ ମାମୁଁମାନେ ନୂଆ ଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ । ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପ ମାଆମାନେ ପିନ୍ଧେଇଥାନ୍ତି । ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠ ପୁତ୍ର ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇ ଭଉଣୀ)ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠ ପୁତ୍ର ଉପରେ ପଡ଼ିଥାଏ । ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ । ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀ ପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ । କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।

  • କେ.ସତ୍ୟନାରାୟଣ ରେଡ୍ଡୀ, ବ୍ରହ୍ମପୁର
Leave A Reply

Your email address will not be published.

twelve − 3 =